ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ ! ଦକ୍ଷିଣରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

321

କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ୬ ତାରିଖଠାରୁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଅର୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ତାହାକୁ ଦୃଷ୍ଟିରେ ରଖି ୧୮ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ, ନବରଙ୍ଗପୁର, ବଲାଙ୍ଗିର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଜଗତ୍ସିଂହପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତେବେ ମାଲକାନଗିରି, ରାୟଗଡ଼ା, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୭ ତାରିଖରେ ବି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ।

ଲଘୁଚାପ ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ। ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ। ସ୍ଥାନେ ସ୍ଥାନେ ପବନର ବେଗ ୬୦ କିମି ଛୁଇଁପାରେ। ତାହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଏହି ସମୟ ମଧ୍ୟରେ ସେମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଉତ୍ତର ବଙ୍ଗେପସାଗର ଓ ସଂଲଗ୍ନ ସ୍ଥଳ ଭାଗରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଯାହାକି ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ୭ ତାରିଖ ଦିନ ଓଡ଼ିଶା ଉପରେ ରହି ପରବର୍ତୀ ସମୟରେ ପଶ୍ଚିମ ଦିଗରେ ଗତି କରିବ। ୭ ତାରିଖରେ ଓଡ଼ିଶା ଓ ୮ରେ ମଧ୍ୟପ୍ରଦେଶ ଉପରେ ଅବସ୍ଥାନ କରିବ। ଅନୁମାନ କରାଯାଉଛି ଯେ ଏଥିଯୋଗୁଁ ଓଡ଼ିଶାରେ ଦୁଇ ଦିନ ବର୍ଷା ହେବ। ଭୁବନେଶ୍ବର ସମେତ ଉପକୂଳ ଅଞ୍ଚଳରେ ୬ ଓ ୭ ତାରିଖ ଦିନ ମଧ୍ୟମ ଧରଣର ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ଲଘୁଚାପଟି ଦକ୍ଷିଣ ଆଡ଼କୁ ଢଳିଥିବାରୁ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶରେ ଅଧିକ ବର୍ଷା ହେବ। ପଶ୍ଚିମ ଓଡ଼ିଶାରେ ୬ ତାରିଖରେ ମଧ୍ୟମ ଧରଣର ବର୍ଷା ଓ ୭ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।