ଆସନ୍ତାକାଲି ରାକ୍ଷୀପୂର୍ଣ୍ଣିମା : ଜାଣନ୍ତୁ, କ’ଣ ରହିଛି ଏହି ପବିତ୍ର ପର୍ବର ପୌରାଣିକ ଓ ଐତିହାସିକ ପୃଷ୍ଠଭୂମି

164

ପୌରାଣିକ ପୃଷ୍ଠଭୂମି ଅନୁସାରେ ରାକ୍ଷୀ ପୂର୍ଣ୍ଣିମା –

ପୁରାଣ ଓ ଇତିହାସରେ ରହିଛି ରାକ୍ଷୀ ପୂର୍ଣ୍ଣିମାର ଅନେକ ଘଟଣା । ପୁରାଣରେ ଅସୁର ରାଜା ବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରାକ୍ଷୀ ପୂର୍ଣ୍ଣିମା ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୌଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗ କରି ବଳିର ରାଜ ପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାଖୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କ’ଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।

ମହାଭାରତରେ ମଧ୍ୟ ରାକ୍ଷୀ ପୂର୍ଣ୍ଣିମାକୁ ନେଇ ପୌରାଣିକ କାହାଣୀ ରହିଛି । କାହାଣୀ ଟି ହେଲା କୃଷ୍ଣ ଓ ଦ୍ରୌପଦୀଙ୍କର । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଏଥିଯୋଗୁଁ ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଚେଷ୍ଟା କରୁଥିଲେ, ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନ କରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଇତିହାସରେ ରାକ୍ଷୀ ପୂର୍ଣ୍ଣିମା-

ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହି ଘଟଣା ପଚରେ ରହିଛି ରାଜନୈତିକ ଅଭିସନ୍ଧି ତଥାପି ରାଖୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ । ପ୍ରଥମ ଘଟଣାଟି ହେଲା ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର । ମାସିଡୋନିଆର ସମ୍ରାଟ ଆଲେକଜାଣ୍ଡାର ଭାରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହେଇଥିଲେ । ପ୍ରଥମ ଥର ପୁରୁଙ୍କ ଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ, ସେତେ ବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ରୁକ୍ସାନା, ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ । ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।

ଅନ୍ୟ ଘଟଣାଟି ହେଲା ରାଣୀ କର୍ଣ୍ଣାବତୀ ଓ ସମ୍ରାଟ ହୁମାୟୁନଙ୍କୁ ନେଇ । ମଧ୍ୟ ଯୁଗର ରାଜପୁତ ଯୋଦ୍ଧମାନେ ପରାକ୍ରମୀ ଥିଲେ । ସେମାନେ କୌଣସି ଆକ୍ରମଣକାରୀ ବିରୋଧରେ ମନ ପ୍ରାଣ ଦେଇ ଲଢୁଥିଲେ । ଏମିତି ଏକ ଯୁଦ୍ଧରେ ଚିତୋରର ରାଣୀ କର୍ଣ୍ଣାବତୀ ସ୍ଵାମୀଙ୍କୁ ହରାଇବାପରେ ଯେତେବେଳେ ଅନୁଭବ କଲେ ଯେ,ସୁଲତାନ ବାହାଦୁରଶାହାଙ୍କୁ ପ୍ରତିହତ କରାଯାଇପାରିବ ନାହିଁ, ସେତେ ବେଳେ ସେ ଉପାୟଟିଏ ଚିନ୍ତାକଲେ । ମୋଗଲ ସମ୍ରାଟ ହୁମାୟୁନଙ୍କ ନିକଟକୁ ଏକ ରାକ୍ଷୀ ପଠେଇ ଦେଲେ । ହୁମାୟୁନ ମଧ୍ୟ ଏହାକୁ ଭଉଣୀର ସ୍ନେହ ମନେ କରି ଚିତୋରର ସୁରକ୍ଷାପାଇଁ ତୁରନ୍ତ ତାଙ୍କର ସୈନ୍ୟବାହିନୀ ପଠେଇଦେଇଥିଲେ ।