ରଥ ନିର୍ମାଣର ଶାସ୍ତ୍ରୀୟ ପଦ୍ଧତି । ରହସ୍ୟମୟ କାହାଣୀର ସମ୍ପୂର୍ଣ୍ଣ ତଥ୍ୟ…

103

କନକ ବ୍ୟୁରୋ: ବିଶ୍ୱ ପ୍ରସିଦ୍ଧ ଶ୍ରୀକ୍ଷେତ୍ରରେ ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରନୁମୋଦିତ। ରଥ ନିର୍ମାଣ ସମ୍ବନ୍ଧରେ ମାନସାର ସଂଗ୍ରହାଦି ଗ୍ରନ୍ଥମାନଙ୍କରେ ସବିଶେଷ ବିଧି ବିଧାନ ରହିଛି।

ଶିଳ୍ପଶାସ୍ତ୍ର ସଂଗ୍ରହ ପୋଥିରେ ୨ୟ ଖଣ୍ଡରେ ରଥର ମୂଳରୁ ଚୂଳ ପର୍ୟ୍ୟନ୍ତ ମୋଟ ୨୭ ଭାଗ କରାଯାଇଛି। ପ୍ରତ୍ୟେକ ଭାଗକୁ ଚଉଠା ଓ ଚଉଠା ଦେଢ଼ ଭାଗକୁ ଅଙ୍ଗୁଳ ବା କଳା କୁହାଯାଏ। ରଥର ତଳ ଚକଡାର ଦୈର୍ଘ୍ୟ ୨୭ ଚଉଠା। ଏହି ଚକଡାକୁ ୯ ଭାଗ କରି ୧୦ ଧାରଣା ପକାଯାଏ। ପ୍ରଥମ ୬ ଧାରଣାର ଲମ୍ବ ୨୭ ଚଉଠା, ୨ୟ ଧାରଣାର ଲମ୍ବ ୨୧ ଚଉଠା ଓ ୩ୟ ଧାରଣାର ଲମ୍ବ ୧୫ ଚଉଠା। ମୁହାଣର ଲମ୍ବ ୧୫ ଚଉଠା,କୁଡୁକାର ଲମ୍ବ ଧାରଣ ମହଲାକୁ ୩ ଚଉଠା, ଏପରି ଚାରି କୋଣରେ ୮ କୁଡୁକା ଦେବ। ବଡ଼ ଦୁଇ ଅଖ ଲମ୍ବ ୩୦ ଚଉଠା, ଛୋଟ ଦୁଇ ଅଖ ଲମ୍ବ ୨୪ ଚଉଠା। ଏହି ଏକ ଚଉଠାକୁ ୧୨ ଭାଗ କରାଯାଏ। ୧୭ ଚଉଠ ୮ ଅଙ୍ଗୁଳରେ ବଡ଼ ଅଖ ଦୁଇ ଗୋଟି ପୁଡା ଡାଇ ହାଣିବ। ଗୁଳିର ଉଚ୍ଚ ୫ ଚଉଠ ୮ ଅଙ୍ଗୁଳ ଗୁଳି ବହଳ ଛାଡି ଛାଡି ଅଖରେ କାନ କିଳା ବିନ୍ଧ କରିବ। ମୁହାଣକୁ ଗୁଳି ନିଶ୍ଵାସ ୮ ଅଙ୍ଗୁଳ ଛାଡି ଧାରଣାରେ ଅଖର କାବିଳା କଣ୍ଟା ବିନ୍ଧ କରିବ । ମୁହାଣ ମଝାଲକୁ ୮ ଚଉଠ ୪ ଅଙ୍ଗୁଳ ଛାଡି ବଡ଼ ଅଖ କାବିଳା ବିନ୍ଧ ଧାରଣାରେ କରିବେ ।

୧୦ ବାହି ପ୍ରକାରେ ଗୋଜଫୁଲି କରି ଜଳନ୍ତରିଆ ଖୋଜ ବିନ୍ଧ କରିବ । ଧାରଣା ବାହି ଉପରେ ଜିଆ ୮ ଚଉଠରେ ନାଇକା ବିନ୍ଧ କରିବ। ନାଇକା ପାଖ ଜଳନ୍ତରିଆ ଖିଜ ୪ ଚଉଠ ୧୨ଅଙ୍ଗୁଳ ଉଚ୍ଚ ଖୁସି କରିବ । ଏଥି ଉପରେ ଛନ୍ଦା ପକାଇବ। ଚକଡା ଚାରିପାଖ ଧାରଣାକୁ ଛନ୍ଦାକୁ ଟୀକା କରିବ। ଧାରଣା ଉପରଠାରୁ ଜିଆ ମିଶି ନାଇକା ୧୪ ଚଉଠ ରଖି ଖୁସି କରିବ। ସିଂହାସନର ଉଚ୍ଚ ୧୨ ଅଙ୍ଗୁଳ କରିବ। ଜିଆ ବହଳ ୧୨ ଆଙ୍ଗୁଳ କରିବ। ଓସାର ୧ ଚଉଠା ନାଇକା ଉପରେ ୮ଚଉଠାଇ ଚଉତାଳ କରିବ। ପ୍ରଥମେ ଭୂଇଁ ଲଦିବ। ଭୂଇଁ ବହଳ ୫ ଅଙ୍ଗୁଳ ଫୁଲି ଠାରୁ ଭୂଇଁ ଅଁଳା, ୨ ଚଉଠ ୪ ଅଙ୍ଗୁଳ। ଭୂଇଁ ମଝାଲ ସୂତା ଠାରୁ ୨ ଅଙ୍ଗୁଳ ରଖି ଗୈ ହାଣିବ। ପାଖୁଡା ୩ ଚଉଠ ୪ ଅଙ୍ଗୁଳ, କୋଣ ପାଖୁଡା ୧ ଚଉଠ ୪ ଅଙ୍ଗୁଳ, ଫୁଲି ଠାରୁ ୧ ଚଉଠ ଲେଖା ଛାଡି ଦୁଇ ପାଖୁଡା ବସାଇବ। ଏହି ପରି ଚାରିପାଖେ ୧୬ ଗୋଟି ପାଖୁଡା ମାରିବ। ଫୁଲି ଠାରୁ ୧ ଚଉଠ ୨ ଅଙ୍ଗୁଳ ଲେଖାରେ ହଂସପାଦି ପକାଇ ୧ ଚଉଠ ଉଚ୍ଚରେ ଚଢେଇ ଖୋଜ ବସାଇବ। ଏଥି ଉପରେ ପାଖୁଡା ହଂସ ପାଦି ମାରିବ। ଚାରି ପାଖେ ହାରାମାଳି ମାରିବ। ଏଥି ଉପରେ ୬ ଚଉଠରେ ବିନ୍ଧ କରି ୮ ଅଙ୍ଗୁଳ ଛାଡି ଓରା ପକାଇବ। ଏହ ପରେ ୨ୟ ଭୂଇଁ, ୨ୟ ପାଖୁଡା ମାରିବ। ଏପରି ଚାରିଦିଗେ ୧୨ ପାଖୁଡା ମାରିବ। ତୃତୀୟ ପୁର ଭୂଇଁ ଚଉତାଳ ୬ ଚଉଠରେ ବସିବ।

ପ୍ରଥମେ ପଟଳ ଲମ୍ବ ୮ ଚଉଠ,ରାହା କାଟଣ ଶେଷ ଠାରୁ ୧୪ ଅଙ୍ଗୁଳ ଉଚ୍ଚ, ୨ୟ ରାହା ମଧ୍ୟ ୧୨ ଅଙ୍ଗୁଳ ଉଚ୍ଚରେ କାଟଣ ହେବ। ଏହି ପରି ଚାରିପାଖ ପଟଳ କରିବ। ପ୍ରଥମ ସାତପୁର ପଟଳ ଉଚ୍ଚ ୨ ଚଉଠ, ସାତପୁରରେ କୋଣ ଓରା ପକାଇ ପଟଳ ଲଦିବ। ପଟଳ ଭୂଇଁ ଉପରଠାରୁ ବଡ଼ ଖୋଜ ମଧ୍ୟ ଚୌତାଳରେ ୨ ଚଉଠ ୧୨ ଅଙ୍ଗୁଳ ରଖି ବସାଇବ। ଏଥି ଉପରେ ପାରାଭାଡି ଭୂଇଁ ୩ ଚଉଠ ୮ଅଙ୍ଗୁଳରେ ଚଉତାଳ କରି ବସାଇବ। ପ୍ରଥମ ସାତପୁର ପଟଳ ଉପରେ ପଟଳ ଭୂଇଁ ଲଦା ହେବ। ୨ୟ ରାହା ୨ ଅଙ୍ଗୁଳ ଲେଖାରେ ପୁରକୁ ପୁର ସାତପୁର କାଟିବ। ୨ୟ ସାତପୁର ପଟଳ ୨ ଚଉଠ କରିବ। ଏଥି ଉପରେ ୧ ଚଉଠ ଉପରେ ମାଙ୍କଡ଼/ଛନ୍ଦା ଦୁଇଗୋଟି ଚଉତାଳ କରି ପକାଇବ। ଦଧିନଉତି ୨ ଚଉଠ ଉଚ୍ଚରେ ମାଙ୍କଡ଼ଛନ୍ଦା ଉପରେ କଳସ ଚକ୍ର ପତାକା ହେବ । କଳଶା ଶିଖା ଠାରୁ ପାରାଭାଡି ଭୂଇଁ ତଳ ପର୍ୟ୍ୟନ୍ତ ଦଖିନଉତି ଖୋଜ ହେବ।

ହଂସପଟା,କଣି,ଶଙ୍ଖଦ୍ଵାର,ଜାଲି,ଗାଈପଟା,ସିଂହାସନ,କନକମୁଣ୍ଡେଇ,ଭୂମି,ଷୋଳ,ନାହକ,ମଗରଦଣ୍ଡା,ବସନ୍ତ,ଦୁଆରଘୋଡା,ସାରଥୀ,ପୀଡ଼,କୁମ୍ଭପଟି, ରାହୁପଟି,ଆଠ,ନାହାକା,ପୀଢ଼,ଋଷିପଟା,ଦଣ୍ଡା,ପାରାଭାଡି,ଖପୁରୀ,ପାଦ, ଚକ, ଦଣ୍ଡିଆ,ଅର,ବାଙ୍କି ଓଲଟ ଶୁଆ,ଦଧିନଉତି,କଣ୍ଠି,ଦଣ୍ଡ,ଚକ୍ର ଓ କେତନ । ଶିଳ୍ପ ଶାସ୍ତ୍ରାନୁଯାୟୀ ରଥର ଅଙ୍ଗ ଗୁଡିକୁ ସାଧାରଣତଃ ୧୩ଟି ମୂଖ୍ୟ ଅଙ୍ଗରେ ବିଭକ୍ତ କରାୟାଇଛି। ଯଥା- (୧) ଚକ୍ରପୀଠ, (୨) ଅରଦଣ୍ଡା,(୩)ଗଗରା,(୪) ମୂଳନାଭ,(୫) ବରାଣ୍ଡି,(୬) ହଂସପଟା, (୭) ରଥଗର୍ଭ,(୮) ପାରାଭାଡି,(୯) କଳସ ପୀଠ, (୧୦) ଦଧିନଉତି, (୧୧) କର୍ଣ୍ଣଅଳା,(୧୨) ଧାତୁ କଳସ ଓ (୧୩) ଆୟୁଧ ଧ୍ଵଜା। ରଥପାଦ ଦେଶରୁ ଶୀର୍ଷଦେଶ ପର୍ୟ୍ୟନ୍ତ ଥିବା ଅଂଶ ଗୁଡିକରେ ନିର୍ମାଣ କରାଯାଏ।