ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ଵାଧୀନତା ଦେବି : ଭାରତକୁ ବ୍ରିଟିଶ ସାମ୍ରାଜ୍ୟ ମୁକ୍ତ କରିବା ପାଇଁ ସୁଭାଷ ଚନ୍ଦ୍ର ବୋଷ ଦେଇଥିଲେ ଆହ୍ୱାନ

284

କନକ ବ୍ୟୁରୋ : ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷ । ତାଙ୍କର ଜନ୍ମ କଟକର ଓଡ଼ିଆ ବଜାର ଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ର ଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।

ସୁଭାଷ, ବାପା ଜାନକୀ ନାଥ ବୋଷଙ୍କ ଔରସରୁ ଓ ମାଆ ପ୍ରଭାବତୀ ଦେବୀଙ୍କ ଠାରୁ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଓଡ଼ିଶାର କଟକ ସହରଠାରେ ଜନ୍ମ ନେଇଥିଲେ । ତାଙ୍କ ପିତା ଥିଲେ ଜଣେ ଆଇନଜୀବି । ଚଉଦ ଭାଇଭଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ । ଅନ୍ୟ ଭାଇଭଉଣୀଙ୍କ ପରି ତାଙ୍କ ଶିକ୍ଷା ବାପଟିଷ୍ଟ ମିଶନଦ୍ୱାରା ପରିଚାଳିତ ପ୍ରୋଟେଷ୍ଟାଣ୍ଟ ଇଉରୋପିଆନ ସ୍କୁଲରେ ଜାନୁଆରୀ ୧୯୦୨ରେ ଆରମ୍ଭ ହେଲା । ୧୯୦୯ରେ କଟକର ରେଭେନ୍ସା କଲେଜିଏଟ ସ୍କୁଲକୁ ସ୍ଥାନାନ୍ତରଣ ପରେ ସେହିଠାରୁ ସେ ୧୯୧୩ରେ ମ୍ୟାଟ୍ରିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ରଖି ଉତ୍ତୀର୍ଣ୍ଣ ହେଲେ । ପ୍ରଥମଟି ଦିନରୁ ହିଁ ତାଙ୍କ ପ୍ରଧାନଶିକ୍ଷକ ବେନିମାଧବ ଦାସ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ ।

ମାଧ୍ୟମିକ ଶିକ୍ଷା ସମାପ୍ତ କଲାପରେ କଲିକତାର ପ୍ରେସିଡେନ୍ସୀ କଲେଜରେ ଦର୍ଶନ ଶାସ୍ତ୍ର ଏବଂ ସ୍କଟିସ ଚର୍ଚ୍ଚ କଲେଜରେ ପାଠ ପଢ଼ିଥିଲେ । ପ୍ରେସିଡେନ୍ସୀ କଲେଜରେ ପଢୁଥିବା ସମୟରେ ଅଧ୍ୟାପକ ଓଟେନଙ୍କ ଭାରତ ବିରୋଧୀ ମନ୍ତବ୍ୟରେ କ୍ଷୁବ୍ଧ ହୋଇ ଅନ୍ୟ ପିଲାଙ୍କ ସହିତ ତାଙ୍କୁ ଦୁର୍ବ୍ୟବହାର କରିଥିବା କାରଣରୁ କଲେଜରୁ ବହିଷ୍କୃତ ହୋଇଥିଲେ ।୧୯୧୯ ମସିହାରେ ପିତାଙ୍କ ବାଧ୍ୟବାଧ୍ୟକତାରେ ବିଲାତ ଯାଇ ୧୯୨୦ ମସିହରେ ଆଇ. ସି. ଏସ. ପରୀକ୍ଷାରେ ଚତୁର୍ଥ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିଲେ । ୧୯୨୧ରେ ଆଇସିଏସର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଘଟିଥିଲା, ତେଣୁ ସେ ଅଧାରୁ ତାଲିମ ଛାଡ଼ି ଭାରତ ଫେରି ଆସିଥିଲେ ।

ଦେଶବନ୍ଧୁ ଚିତ୍ତରଞ୍ଜନ ଦାସଙ୍କ ସମ୍ପର୍କରେ ଆସିବା ପରେ ସେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇ ୧୯୨୩ରେ ବଙ୍ଗଳା ପ୍ରାଦେଶିକ କଂଗ୍ରେସର କମିଟିର ସମ୍ପାଦକ ହୋଇଥିଲେ । ୧୯୨୪ ମସିହାରେ ସେ କଲିକତା ମହାନଗରୀର ମେୟର ହୋଇଥିଲେ । ୧୯୨୮ରେ କଂଗ୍ରେସ ପକ୍ଷରୁ ନିଯୁକ୍ତପ୍ରାପ୍ତ ମୋତିଲାଲ ନେହେରୁ କମିଟି ସ୍ଵାୟତ୍ତ ଶାସନ ସପକ୍ଷରେ ମତ ଦେଇଥିଲେ, କିନ୍ତୁ ଜବାହରଲାଲ ନେହେରୁ ଓ ସୁଭାଷ ବୋଷ ଉଭୟେ ପୂର୍ଣ୍ଣ ସ୍ଵାଧୀନତା ଚାହିଁଥିଲେ । ୧୯୩୦ରେ ଆଇନ ଅମାନ୍ୟ ଆନ୍ଦୋଳନ ବେଳେ ସୁଭାଷଙ୍କୁ ଗିରଫ କରି ଜେଲରେ ରଖାଯାଇଥିଲା, ତେବେ ୧୯୩୧ରେ ଗାନ୍ଧୀ-ଇରୱିନ ଚୁକ୍ତି ପରେ ତାଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା । ୧୯୩୮ ମସିହାରେ ହରିପୁରା ଜାତୀୟ କଂଗ୍ରେସର ଅଧିବେଶନରେ ଗାନ୍ଧୀଙ୍କ ମନୋନୀତ ପ୍ରାର୍ଥୀ ପଟ୍ଟାଭିସୀତାରାମାୟାଙ୍କୁ ହରାଇ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୩୯ରେ ସେ ପୁଣିଥରେ ସେହି ପଦବୀକୁ ନିର୍ବାଚିତ ହୋଇଥିଲେ ।

୧୯୩୯ରେ ସେ ଫରୱାର୍ଡ଼ ବ୍ଳକ ନାମକ ଏକ ନୂତନ ଦଳ ଗଠନ କରିଥିଲେ । ସଶସ୍ତ୍ର ଆନ୍ଦୋଳନଦ୍ଵାରା ହିଁ ଭାରତକୁ ବ୍ରିଟିଶ ସାମ୍ରାଜ୍ୟବାଦରୁ ମୁକ୍ତ କରିହେବ ବୋଲି ସେ ବିଶ୍ଵାସ କରୁଥିଲେ । ସେ ଇଟାଲିର ଜନନାୟକ ଗାରିବାଲ୍ଡି ଓ ମାଜିନିଙ୍କଦ୍ଵାରା ଯଥେଷ୍ଟ ଅନୁପ୍ରାଣୀତ ହୋଇଥିଲେ । ସୁଭାଷଙ୍କର ଏହି ଉଗ୍ରନୀତି ଯୋଗୁଁ ବ୍ରିଟିଶ ସରକାର ତାଙ୍କୁ କଲିକତାଠାରେ ନଜରବନ୍ଦୀ ରୂପେ ରଖିଥିଲେ । ଭାରତର ସ୍ଵାଧୀନତା ପାଇଁ ଭାରତ ବାହାରେ ରହି ଯୁଦ୍ଧ କରିବା ପାଇଁ ୧୯୪୧ ଜାନୁଆରୀ ୧୭ ତାରିଖରେ ସେ ଭାରତର ସୀମାନ୍ତ ଅତିକ୍ରମ କରି ଆଫଗାନିସ୍ଥାନ ଓ ସୋଭିଏତ ଋଷ ମଧ୍ୟ ଦେଇ ମାର୍ଚ୍ଚ ମାସରେ ବର୍ଲିନଠାରେ ପହଞ୍ଚିଥିଲେ । ଜର୍ମାନୀର ନାଜି ଶାସକ ହିଟଲରଙ୍କ ସହ ସାକ୍ଷାତ କରି ଭାରତର ସ୍ଵାଧୀନତା ହାସଲ ସମ୍ପର୍କରେ ତାଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଥିଲେ । ବର୍ଲିନଠାରେ ଏକ ମୁକ୍ତ ଭାରତ କେନ୍ଦ୍ର ଉନ୍ମୋଚନ କଲେ ଓ ଜର୍ମାନୀ ମାଟିରେ ଫ୍ରି ଇଣ୍ଡିଆ ଆର୍ମି ଗଠନ କରିଥିଲେ । ସୁଦୂର ବର୍ଲିନରୁ ଆଜାଦ ହିନ୍ଦ ରେଡ଼ିଓ ମାଧ୍ୟମରେ ଭାରତବାସୀଙ୍କୁ ସଂଗ୍ରାମ ପାଇଁ ଆହ୍ଵାନ ଦେଇଥିଲେ । ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ଵାଧୀନତା ଦେବି ଆହ୍ଵାନରେ ସମସ୍ତଙ୍କୁ ଏକଜୁଟ କଲେ ।

ଦ୍ଵିତୀୟ ବିଶ୍ଵଯୁଦ୍ଧ ସମୟରେ ଜାପାନରେ ନିର୍ବାସିତ ଭାବେ ବାସ କରୁଥିବା ରାସ ବିହାରୀ ବୋଷ ନାମକ ଜଣେ ଭାରତୀୟ ଜାପାନ, ବର୍ମା, ମାଳୟ, ପ୍ରଭୃତି ସ୍ଥାନରେ ପ୍ରବାସୀ ଭାରତୀୟ ଓ ଯୁଦ୍ଧ ବନ୍ଦୀମାନଙ୍କୁ ଏକତ୍ରିତ କରି ଭାରତୀୟ ସ୍ଵାଧୀନତା ଲିଗ ଗଠନ କଲେ । ସୁଭାଷ ସିଙ୍ଗାପୁରରେ ଆଜାଦ ହିନ୍ଦ ଫୌଜର ଦାୟିତ୍ଵ ଗ୍ରହଣ କଲେ ଏବଂ ୧୯୪୩ ମସିହା ଅକ୍ଟୋବର ୨୧ତାରିଖ ଦିନ ସେଠାରେ ଏକ ଅସ୍ଥାୟୀ ସ୍ଵାଧୀନ ସରକାର ଗଠନ କଲେ । ସେହିଠାରୁ ସେ ଆହ୍ଵାନ ଦେଇଥିଲେ ଦିଲ୍ଲୀ ଚଲୋ । ଏହା ସହିତ ଆରମ୍ଭ ହେଲା ଆଜାଦ ହିନ୍ଦ ଫୌଜର ଅଭିଯାନ । ୧୯୪୪ ମାର୍ଚ୍ଚ ୧୮ ତାରିଖରେ ଆଜାଦ ହିନ୍ଦ ଫୌଜ ବର୍ମା ସୀମା ଅତିକ୍ରମ କରି ଭାରତୀୟ ମାଟିରେ ପାଦ ଥାପିଥିଲା ଓ ମଣିପୁରର ଇମ୍ଫାଲ ଯାଏଁ ଏହି ଅଭିଯାନ ଅଗ୍ରସର ହେଲା । ଦୃଢ଼ ପଦକ୍ଷେପରେ ଅଗ୍ରସର ହେଉଥିବା ଆଜାଦ ହିନ୍ଦ ଫୌଜ ଉପରେ ବ୍ରିଟିଶ ବାହିନୀ ଉଭୟ ସ୍ଥଳ ଓ ଆକାଶ ପଥରୁ ଆକ୍ରମଣ କରି ଇମ୍ଫାଲଠାରେ ତାଙ୍କୁ ପରାସ୍ତ କଲା ।

ଶାହନୱାଜ କମିଟି, ଖୋସଲା କମିଶନ, ମୂଖାର୍ଜୀ କମିଶନ ପରି ଅନେକ କମିଶନ ଅଫ ଇନକ୍ଵାରି ବସିଥିଲେ ମଧ୍ୟ ତାଙ୍କର ମୃତ୍ୟୁର କାରଣ ଏବଂ ସମୟ ସଠିକ ଭାବେ ନିରୂପିତ ହୋଇପାରିନାହିଁ ।