ଗୁରୁବ୍ରହ୍ମା ଗୁରୁବିଷ୍ଣୁ ଗୁରୁଦେବ ମହେଶ୍ୱର….. ଗୁରୁ ସାକ୍ଷାତ୍ ପରଂବ୍ରହ୍ମ.. ତସ୍ମୈ ଶ୍ରୀଗୁରବେ ନମଃ । ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ସାଜନ୍ତି ଆଲୋକବର୍ତ୍ତିକା । କେବେ ଆକଟ ଭରା କଠୋର ଅନୁଶାସନ ତ ପୁଣି କେବେ ତାଙ୍କ ଉତ୍ସାହପ୍ରଦ ପ୍ରେରଣା ଜଣଙ୍କୁ ସାଧାରଣରୁ ଅସାଧାରଣର ମୁକୁଟ ପିନ୍ଧାଏ । ପାଠ ହେଉ କି ସଂଗୀତ । ଖେଳ ହେଉ କି ନୃତ୍ୟ । ପ୍ରତିଟି କ୍ଷେତ୍ରରେ ଗୁରୁଙ୍କର ମାର୍ଗଦର୍ଶନ କୃତୀ ପ୍ରତିଭାଙ୍କ ପାଇଁ ଆଣି ଦେଇଛି ପ୍ରସିଦ୍ଧି । ଆଜି ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ‘ଗୁରୁ ଦିବସ’ ଭାବେ ସାରା ଭାରତ ବର୍ଷରେ ପାଳନ କରାଯାଉଛି । ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ ପାଳନ କରାଯାଉଛି ।

ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷକ, ଶିକ୍ଷାବିତ୍, ଦାର୍ଶନୀକ ଓ କୁଟନୀତିଜ୍ଞ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ । ୧୮୮୮ ସେପ୍ଟେମ୍ବର ୫ ତାରିଖରେ ତାମିଲନାଡୁର ତିରୁଟ୍ଟନୀଠାରେ ଜନ୍ମଗ୍ରହଣ କରିଥିଲେ ଏହି ମହାନ ବ୍ୟକ୍ତିତ୍ୱ । ରାଧାକ୍ରିଷ୍ଣନଙ୍କ ଶୈଶବ ତିରୁଟ୍ଟନୀ ଓ ତିରୁପତିରେ କଟିଥିଲା ଏବଂ ତାଙ୍କର ପାଠପଢା ଆରମ୍ଭ ହୋଇଥିଲା ଖ୍ରୀଷ୍ଟିଆନ୍ ମିସନାରି ସ୍କୁଲରେ । ଉଚ୍ଚ ଶିକ୍ଷା ପରେ, ୧୯୦୯ରେ ରାଧାକ୍ରିଷ୍ଣନଙ୍କୁ ମାଡ୍ରାସ ପ୍ରେସିଡେନ୍ସି ମହାବିଦ୍ୟାଳୟରେ ଦର୍ଶନ ବିଭାଗର ଅଧ୍ୟାପକ ଭାବେ ନିଯୁକ୍ତି ମିଳିଥିଲା । ଏହାପରଠାରୁ ରାଧାକ୍ରିଷ୍ଣନ ମୁଖ୍ୟତଃ ଭାରତୀୟ ଦର୍ଶନ ଶାସ୍ତ୍ର ଏବଂ ଧର୍ମଶାସ୍ତ୍ର ଅଧ୍ୟୟନରେ ନିଜକୁ ନିୟୋଜିତ ରଖିଥିଲେ ।

୧୯୧୮ରେ ରାଧାକ୍ରିଷ୍ଣନ ମୈସୂର ବିଶ୍ୱବିଦ୍ୟାଳୟରେ ଦର୍ଶନ ବିଭାଗର ପ୍ରଫେସର ଭାବେ ନିଯୁକ୍ତ ହୋଇଥିଲେ । ତାହାପରେ କଲିକତା ବିଶ୍ୱବିଦ୍ୟାଶୟ, ଲଣ୍ଡନର ହାର୍ଭାଡ୍ ବିଶ୍ୱବିଦ୍ୟାଳୟ, ମାଂଚେଷ୍ଟର ବିଶ୍ୱବିଦ୍ୟାଳୟ ଓ ଶେଷରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ । ଶିକ୍ଷକ-ଜୀବନରେ ସେ ଭାରତୀୟ ଦର୍ଶନ, ଧର୍ମ-ଦର୍ଶନ, ତୁଳନାତ୍ମକ ଧର୍ମ-ଦର୍ଶନ ଓ ନୀତିଶିକ୍ଷା ଆଦିରେ ଶିକ୍ଷାଦାନ କରିଥିଲେ ।

‘ଶ୍ରୀମଦଭଗବତଗୀତା’କୁ ଇଂରାଜୀରେ ଅନୁବାଦ କରିଥିଲେ ରାଧାକ୍ରିଷ୍ଣନ । ବେଦ ଓ ଉପନିଷଦକୁ ଅତି ସୁନ୍ଦର ଭାବରେ ବ୍ୟାଖ୍ୟା କରୁଥିଲେ ସେ । ଖାଲି ସେତିକି ନୁହେଁ ରାଧାକ୍ରିଷ୍ଣନ ସତ୍ୟାନୁରାଗୀ ଓ ସଦାଚାରୀ ବି ଥିଲେ । ୧୯୪୯ରେ ସୋଭିଏତେ ରଷିଆକୁ ଭାରତୀୟ ରାଷ୍ଟ୍ରଦୂତ ଭାବେ ପ୍ରେରିତ ହୋଇଥିଲେ ଏବଂ ୧୯୫୪ରେ ତାଙ୍କୁ ପ୍ରଦାନ କରାଯାଇଥିଲା ସମ୍ମାନଜନକ ଭାରତ ରତ୍ନ ।

ଆଜି ସେହି ମହାନ ଜନନାୟକଙ୍କ ଉର୍ଦ୍ଦେଶର ଦେଶବାସୀ ପାଳୁଛନ୍ତି ପବିତ୍ର ‘ଗୁରୁ ଦିବସ’ ଏବଂ ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ଗୁରୁଙ୍କୁ ଦେବତୁଲ୍ୟ ଭାବେ ପୂଜାର୍ଚ୍ଚନା କରିଛନ୍ତି ।