ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ! ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ

538

କନକ ବ୍ୟୁରୋ : ଅପରାହ୍ନ ୩ଟା ପର ଠାରୁ ସନ୍ଧ୍ୟା ୮ଟି ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ପବନ ସହ ବର୍ଷା ବହିବ ଆଶଙ୍କା ରହିଛି । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, କନ୍ଧମାଳ,କୋରାପୁଟ ଓ ମୟୂରଭଞ୍ଜ ସାମିଲ ଅଛି । ଏହାସହ ଏହି ଜିଲ୍ଲା ଗୁଡ଼ିକରେ ବଜ୍ରପାତର ଆଶଙ୍କା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସାଟେଲାଇଟ୍ ଚିତ୍ର ଓ ଡପଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ସତର୍କ ସୂଚନା । ସୂଚନା ଅନୁସାରେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ । ଏହି ସମୟ ମଧ୍ୟରେ ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ମଧ୍ୟ ରହିଛି । କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଅନ୍ୟପକ୍ଷରେ ରାଜ୍ୟରେ ଆଜି ବି ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ଲାଗି ରହିବ। ଫଳରେ ବର୍ଷା ସାଙ୍ଗକୁ ତୁହାକୁ ତୁହା ପବନ ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପବନର ବେଗ ଅଧିକ ରହିବ।