କନକ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ବିଳମ୍ୱିତ ରାତିରେ ଜୋରଦାର ବର୍ଷା ହୋଇଛି। ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୁର୍ଣ୍ଣିବଳୟ, ଯାହା ଆଗକୁ ନେଇପାରେ ଲଘୁଚାପର ରୂପ। ଏହାର ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି। ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, କଟକ, ମାଲକାନଗିରି କୋରାପୁଟ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଚଳିତ ମୌସୁମୀରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୪୭୮.୮ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ୫୨୬.୪ ମିମି ସ୍ୱାଭାବିକ ଵର୍ଷା ହେବାକଥା। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।