ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୭୨ ଘଣ୍ଟା ଭିତରେ ଘନୀଭୂତ ହୋଇ ହୋଇପାରେ ଝଡ ।

368

କନକ ବ୍ୟୁରୋ: ବାତ୍ୟା ତାଉ-ତେ ପରେ ଏବେ ପଶ୍ଚିମବଙ୍ଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ବଙ୍ଗୋପସାଗରର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିସହ ଏହାର ୭୨ ଘଂଟା ମଧ୍ୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ କିମ୍ବା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ମଧ୍ୟ କୁହାଯାଇଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ, ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ୨୬ ତାରିଖ ସନ୍ଧ୍ୟାରେ ପହଞ୍ଚିବାର ସମ୍ଭାବନା ରହିଛି । ଏଥିପାଇଁ ୨୫ ତାରିଖ ରାତିଠାରୁ ଉପକୂଳ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ବର୍ଷାର ତୀବ୍ରତା ବୃଦ୍ଧି ସହିତ ବିସ୍ତାରର ବୃଦ୍ଧି ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ୨୩ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତା ସହ ଆଗାମୀ ସମୟରେ ଏହା ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।