କନକ ବ୍ୟୁରୋ: ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା - ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ। ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

Advertisment

ଚାକିରୀରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ। କଣ୍ଟ୍ରାକ୍‌ଟର ମାନଙ୍କ ଠାରୁ ଅସତ୍‌ ଉପାୟରେ ୧୦.୨୩ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ସେ ଭିଜିଲାନ୍‌ସ ଦ୍ବାରା ଧରା ପଡିଥିଲେ। ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଉପରେ ଚଢଉ କଲା ପରେ ୮.୬୩ କୋଟି ଟଙ୍କାର ସଂପତ୍ତି ଓ ୧.୪ କୋଟି ଟଙ୍କାର ନଗଦ ଟଙ୍କା ଧରା ପଡିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ଶ୍ରୀ ମାନସ ରଂଜନ ମହାନ୍ତି। ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ଏହାସହିତ ତାଙ୍କ ପାଖରେ ୩.୯୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା । ତାଙ୍କ ବିରୁଦ୍ଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪.୨୬ କୋଟିରୁ ଅଧିକ ଟଙ୍କାର ଆୟବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ଭିଜିଲାନ୍ସ ମାମଲା ଚାଲିଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିପରି କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀଙ୍କ ବିରୁଦ୍ଧରେ ୧.୪୨ କୋଟି ଟଙ୍କାରୁ ଅଧିକ ଟଙ୍କାର ଆୟବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ଦୁର୍ନିତୀ ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଉମରକୋଟ ଆର ଆଣ୍ଡ ବି ସେକ୍ସନର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା। ଏହାସହିତ ତାଙ୍କ ନାମରେ ୭୦.୯୩ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସଂପତ୍ତି ଥିବା ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଜଳଧର ମଲ୍ଲିକଙ୍କ ନାମରେ ଗୋଟିଏ ବଦଳି କେସ୍‌ରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲ ଥିଲା । ଅସାଧୁତା କାରଣରୁ ତାଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ବର୍ତ୍ତମାନ ବାଲେଶ୍ୱର ଜିଲ୍ଲାରେ ଡେପୁଟି କଲେକ୍ଟର ଥିବା ଓ ମୟୁରଭଂଜ ଜିଲ୍ଲାର ସାମାଖୁଣ୍ଟା ବ୍ଲକର ପୂର୍ବତନ ତହସିଲଦାର ଓ.ଏ.ଏସ ଅଧିକାରୀ ସବିତା ସାହୁଙ୍କ ନାମରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା। ଅସାଧୁତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ ପ୍ରଭାସିନୀ ବାବୁ ସ୍ୱାମୀଙ୍କୁ ହରାଇଥିବା ଜଣେ ମହିଳାଙ୍କୁ ୨୦ ହଜାର ଟଙ୍କାର ସାମାଜିକ ସହାୟତା ପ୍ରଦାନ ପାଇଁ ୩୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ଚାକିରୀରୁ ବହିଷ୍କାର କରାଯାଇଛି।

ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।