ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ହୁଏ ୯ ହାଣ୍ଡି ଅଧରପଣା । ଜାଣନ୍ତୁ, କେଉଁ କେଉଁ ଦ୍ରବ୍ୟକୁ ନେଇ ପ୍ରସ୍ତୁତ ହୁଏ ଏହି ଅଧରପଣା?

287

କନକ ବ୍ୟୁରୋ: ଆଜି ରଥରେ ହେବ ମହାପ୍ରଭୁଙ୍କ ଅଧରପଣା ନୀତି । ୩ ଠାକୁରଙ୍କୁ ୯ଟି ମାଟିହାଣ୍ଡିରେ ଅଧରପଣା ଲାଗି ହେବ । ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କୁ ତୁପ୍ତ କରିବା ପାଇଁ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସମ୍ପନ୍ନ ହେବ । ଚତୁର୍ଦ୍ଧାମୂର୍ତିଙ୍କ ଠାରେ ଏହି ପଣା ଲାଗି ହେବା ପରେ ରଥ ଉପରେ ହାଣ୍ଡିକୁ ଭଙ୍ଗାଯିବ । ଏଥିପାଇଁ ସ୍ୱତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଛି ।

ତେବେ ଆପଣ ଜାଣିଛନ୍ତି କି ? ମହାପ୍ରଭୁଙ୍କ ପାଇଁ ଯେଉଁ ଅଧରପଣା ପ୍ରସ୍ତୁତ କରାଯାଇଥାଏ ତାହା କେଉଁ କେଉଁ ସାମଗ୍ରୀକୁ ନେଇ ପ୍ରସ୍ତୁତ କରାଯାଇଥାଏ? ସୂଚନା ମୁତାବକ, ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ରଥ ଉପରେ ଠାକୁରମାନଙ୍କ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧର ପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ। ମନ୍ଦିର ପ୍ରଶାସନ, ରାଘବ ଦାସ ଓ ବଡ଼ ଓଡ଼ିଆ ମଠ ପ୍ରଦତ୍ତ ଛାଚି, ସର, କଦଳୀ , ଛେନା, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ ଇତ୍ୟାଦି ପଣା ଦ୍ରବ୍ୟ ସାମଗ୍ରୀ ପାଳିଆ ମହାସୁଆର ରଥ ଉପରେ ରଖିଥାନ୍ତି।

ପ୍ରତ୍ୟେକ ଠାକୁରଙ୍କ ସମ୍ମୁଖରେ ରଥ ଉପରେ ଭୋଗ ହେଉଥିବା ସ୍ଥାନରେ ମହାପ୍ରଭୁମାନଙ୍କର ଶ୍ରୀଅଧର ଉଚ୍ଚ ଥିବା ତୁମ୍ବ ଆକୃତି ଭଳି ମାଟିର ତିନୋଟି ହାଣ୍ଡି ରଖାଯାଏ । କିନ୍ତୁ ପ୍ରତ୍ୟେକ ହାଣ୍ଡି ସମାନ ମାପର ହୋଇ ନଥାଏ। ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ୱାର ଛାଉଣୀ ମଠ ସମ୍ମୁଖସ୍ଥ କୂପରୁ ଗରାମାନଙ୍କରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତଳ ହଣ୍ଡାମାନଙ୍କରେ ରଖିଥାନ୍ତି । ଯାହାକୁ ପରେ ଭଙ୍ଗା ଯାଇଥାଏ ।

ପୂର୍ବେ ଅଧରପଣା ପାଇଁ ଆବଶ୍ୟକ ଜଳ ରାଧାବଲ୍ଲଭ ମଠ କୂପରେ ଆସୁଥିଲା । ପରବର୍ତ୍ତୀ ସମୟରେ ସିଂହଦ୍ୱାରା ସମ୍ମୁଖ କୂପରୁ ଏହି ଜଳ ଅଣାଯାଉଛି। ଜଳବୁହା ବେଳେ ମନ୍ଦିର ଚର୍ଚ୍ଚା ଓ ବରକନ୍ଦାଜ କର୍ମଚାରୀମାନେ ଆଗରେ ଗୁଆ ଖୋଳପା ଧରି ଲୋକଙ୍କୁ ଆଡେଇଥାନ୍ତି, ଯେପରିକି କେହି ଜଳକୁ ସ୍ପର୍ଶ କରିପାରିବେ ନାହିଁ । ଅଧରପଣା ଭୋଗ ପୂରରୁ ମହାସୁଆରମାନେ ଥାଇ ଭିତରଚ୍ଛ, ତଳୁଚ୍ଛ ଓ ସୁଭଦ୍ରାଙ୍କ ରଥରେ ପାଳିଆ ପୁଷ୍ପାଳକ ଅଧର ଆଗରେ ଖଣ୍ଡେ ନୂଆ ଗାମୁଛା ଟେରା ଧରିଥାନ୍ତି।

ଅଧରପଣା ହାଣ୍ଡି ଉପରେ ଖଣ୍ଡେ ଲେଖାଏଁ ଧଳା କରିକା (ଜାଲିକନା) ପକାଯାଏ। ଜଳ ଛଣା ଉଦ୍ଦେଶ୍ୟରେ ଏହା ପକାଯାଏ ବୋଲି କଥିତ ରହିଛି। ମହାସୁଆରମାନେ ପ୍ରତି ରଥରେ ଅଧର ହାଣ୍ଡିରେ ପଣା ପ୍ରସ୍ତୁତ କରିଥାନ୍ତି। ଏହାପରେ ପତ୍ରିବଡୁ, ସୁଆରବଡୁ ଓ ଗରାବଡ଼ୁ ପାଳିଆ ସେବକ ତିନି ରଥରେ ପୂଜା ପାଠ କରନ୍ତି। ତତ୍ ପରେ ପାଳିଆ ପୂଜା ପଣ୍ଡା ପଞ୍ଚୋପଚାରରେ ପୂଜା କରିଥାନ୍ତି।

ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, ସ୍ୱତ୍ତ୍ୱଲିପି ଅନୁଯାୟୀ ବାହୁଡା ଦଶମୀ ଦିନ ରଥ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଅଧର ପଣା ଭୋଗ ହେବା କଥା । କିନ୍ତୁ ସମୟ ଅଭାବରୁ ଏହା ଏକାଦଶୀ ଦିନ ଅନୁଷ୍ଠିତ ହୋଇଥାଏ। ପ୍ରକୃତ ପକ୍ଷେ ଏହା ଏକାଦଶୀ ଦିନ ମଧ୍ୟ ହୋଇ ନ ପାରି ଦ୍ୱାଦଶୀ ତିଥିରେ ଏହି ଅଧର ପଣା ଭୋଗ କରାଯାଉଛି। ଗବେଷକ ଡଃ ସୁରେନ୍ଦ୍ର କୁମାର ମିଶ୍ର ଓଡ଼ିଆ ମଠରୁ ପ୍ରାପ୍ତ ସନନ୍ଦକୁ ଆଧାର କରି ଉଲ୍ଲେଖ କରିଛନ୍ତି ଯେ, ପୂର୍ବେ ବାହୁଡା ଦଶମୀ ଦିନ ତିନି ହାଣ୍ଡି, ଏକାଦଶୀରେ ତିନି ହାଣ୍ଡି ଓ ଦ୍ୱାଦଶୀ ଦିନ ତିନି ହାଣ୍ଡି ଏହିପରି ୯ ହାଣ୍ଡି ଅଧର ପଣା ଓ ବଳଭଦ୍ରଙ୍କ ରଥରେ ରାମ, କୃଷ୍ଣଙ୍କ ଉଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଓ ଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ନିମିତ୍ତ ୧ ହାଣ୍ଡି (ସାନ) କ୍ରମରେ ମୋଟ ୧୨ଟି ହାଣ୍ଡି ଅଧର ପଣା ଭୋଗ ହେଉଥିଲା। ବର୍ତ୍ତମାନ ତିନି ରଥ ପାଇଁ ଦ୍ୱାଦଶୀ ଦିନ ମୋଟ ୯ ହାଣ୍ଡି ଅଧର ପଣା ଭୋଗ ହେଉ ଅଛି ।