ରଥ ଉପରେ ସମ୍ପନ୍ନ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି । ଆସନ୍ତାକାଲି ନିଳାଦ୍ରୀ ବିଜେ, ବଡ଼ ଠାକୁରଙ୍କ ବଡ ଲୀଳା ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ ।

90

କନକ ବ୍ୟୁରୋ  : ରଥ ଉପରେ ସମ୍ପନ୍ନ ହେଲା ଶ୍ରୀଜିଉଙ୍କ ଅଧରପଣା ନୀତି । ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚର ତୁମ୍ବରେ ପଣା ପ୍ରସ୍ତୁତ କରାଯାଇଥିବା ବେଳେ ଏହାକୁ ଶ୍ରୀଜୀଉଙ୍କୁ ଲାଗି ହେଲା ପରେ ଭାଙ୍ଗି ଦିଆଯାଇଛି । ବିଶ୍ୱାସ ଅଛି ଅଶରୀରମାନଙ୍କ ଉଦ୍ଧାର ପାଇଁ ରଥ ଉପରେ ଅଧରପଣା ହାଣ୍ଡି ଭଙ୍ଗା ଯାଇଥାଏ । ରଥର ପାଶ୍ୱର୍ ଦେବାଦେବୀଙ୍କ ସମେତ ମହାପ୍ରଭୁଙ୍କ ସହ ଭୋଗ ପାଇବାକୁ ଚଣ୍ଡୀ ଚାମୁଣ୍ଡାମାନେ ଘୁରି ବୁଲୁଥିବାରୁ ପଣା ପରିପୂର୍ଣ୍ଣ ଅଧର ହାଣ୍ଡି ଭାଙ୍ଗି ସେମାନଙ୍କୁ ଉତ୍ସର୍ଗ କରାଯାଏ ବୋଲି କଥିତ ରହିଛି । ଆସନ୍ତାକାଲି ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସଂପନ୍ନ ହେବ । ଚତୁର୍ଦ୍ଧା ମୂରତି ଶ୍ରୀମନ୍ଦିରରେ ପ୍ରବେଶ କରିବେ । ଏହା ସହ ରଥଯାତ୍ରାର ନୀତି ଶେଷ ହେବ ।

ସ୍ୱତଲିପି ଅନୁଯାୟୀ ବାହୁଡ଼ା ଦଶମୀ ଦିନ ରଥ ସିଂହଦ୍ୱାର ନିକଟରେ ପହଁଚିବା ପରେ ‘ଅଧର ପଣା’ ଭୋଗ ହେବା କଥା । କିନ୍ତୁ ସମୟ ଅଭାବରୁ ଏହା ଏକାଦଶୀ ଦିନ ଅନୁଷ୍ଠିତ ହୋଇଥାଏ । ହେଲେ ଏକାଦଶୀ ଦିନ ମଧ୍ୟ ଏହି ନୀତି ହୋଇ ନପାରି ଅନେକ ବର୍ଷ ଧରି ଦ୍ୱାଦଶୀ ତିଥିରେ ଏହି ‘ ଅଧର ପଣା’ ଭୋଗ କରାଯାଉଛି । ଗବେଷକ ଡଃ ସୁରେନ୍ଦ୍ର କୁମାର ମିଶ୍ର ଓଡ଼ିଆ ମଠରୁ ପ୍ରାପ୍ତ ସନନ୍ଦକୁ ଆଧାର କରି ଉଲ୍ଲେଖ କରିଛନ୍ତି ଯେ, ପୂର୍ବେ ବାହୁଡା଼ ଦଶମୀ ଦିନ ତିନି ହାଣ୍ଡି, ଏକାଦଶୀରେ ତିନି ହାଣ୍ଡି ଓ ଦ୍ଵାଦଶୀ ଦିନ ତିନି ହାଣ୍ଡି ଏହିପରି ନଅ ହାଣ୍ଡି ଅଧର ପଣା ଓ ବଳଭଦ୍ରଙ୍କ ରଥରେ ରାମ , କୃଷ୍ଣଙ୍କ ଉଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଓ ଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ନିମିତ୍ତ ୧ ହାଣ୍ଡି (ସାନ) କ୍ରମରେ ମୋଟ ୧୨ଟି ହାଣ୍ଡି ଅଧର ପଣା ଭୋଗ ହେଉଥିଲା । ସମ୍ପ୍ରତି ତିନି ରଥ ପାଇଁ ଦ୍ଵାଦଶୀ ଦିନ ମୋଟ ୯ ହାଣ୍ଡି ଅଧର ପଣା ଭୋଗ ହେଉଅଛି।

ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ରଥ ଉପରେ ଠାକୁରମାନଙ୍କ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧର ପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ। ମନ୍ଦିର ପ୍ରଶାସନ , ରାଘବ ଦାସ ଓ ବଡ଼ ଓଡ଼ିଆ ମଠ ପ୍ରଦତ୍ତ ଛାଚି, ସର, କଦଳୀ , ଛେନା, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ ଇତ୍ୟାଦି ପଣା ଦ୍ରବ୍ୟ ସାମଗ୍ରୀ ପାଳିଆ ମହାସୁଆର ରଥ ଉପରେ ରଖିଥାନ୍ତି। ପ୍ରତ୍ୟେକ ଠାକୁରଙ୍କ ସମ୍ମୁଖରେ ରଥ ଉପରେ ଭୋଗ ହେଉଥିବା ସ୍ଥାନରେ ମହାପ୍ରଭୁମାନଙ୍କର ଶ୍ରୀଅଧର ଉଚ୍ଚ ଥିବା ତୁମ୍ବ ଆକୃତି ଭଳି ମାଟିର ତିନୋଟି ହାଣ୍ଡି ରଖାଯାଏ । କିନ୍ତୁ ପ୍ରତ୍ୟେକ ହାଣ୍ଡି ସମାନ ମାପର ହୋଇ ନଥାଏ। ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ଵାର ଛାଉଣୀ ମଠ ସମ୍ମୁଖସ୍ଥ କୂପରୁ ଗରାମାନଙ୍କରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତଳ ହଣ୍ଡାମାନଙ୍କରେ ରଖିଥାନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ପୂର୍ବେ ଅଧର ପଣା ପାଇଁ ଆବଶ୍ୟକ ଜଳ ରାଧାବଲ୍ଲଭ ମଠ କୂପରେ ଆସୁଥିଲା । ପରବର୍ତ୍ତୀ ସମୟରେ ସିଂହଦ୍ଵାରା ସମ୍ମୁଖ କୂପରୁ ଏହି ଜଳ ଅଣାଯାଉଛି। ଜଳବୁହା ବେଳେ ମନ୍ଦିର ଚର୍ଚ୍ଚା ଓ ବରକନ୍ଦାଜ କର୍ମଚାରୀମାନେ ଆଗରେ ଗୁଆ ଖୋଳପା ଧରି ଲୋକଙ୍କୁ ଆଡେଇଥାନ୍ତି, ଯେପରିକି କେହି ଜଳକୁ ସ୍ପର୍ଶ କରିପାରିବେ ନାହିଁ । ଅଧରପଣା ଭୋଗ ପୂର୍ବରୁ ମହାସୁଆରମାନେ ଥାଇ ଭିତରଚ୍ଛ, ତଳୁଚ୍ଛ ଓ ସୁଭଦ୍ରାଙ୍କ ରଥରେ ପାଳିଆ ପୁଷ୍ପାଳକ ଅଧର ଆଗରେ ଖଣ୍ଡେ ନୂଆ ଗାମୁଛା ଟେରା ଧରିଥାନ୍ତି। ଅଧରପଣା ହାଣ୍ଡି ଉପରେ ଖଣ୍ଡେ ଲେଖାଏଁ ଧଳା କରିକା (ଜାଲିକନା) ପକାଯାଏ। ଜଳ ଛଣା ଉଦ୍ଦେଶ୍ୟରେ ଏହା ପକାଯାଏ ବୋଲି କଥିତ ରହିଛି। ମହାସୁଆରମାନେ ପ୍ରତି ରଥରେ ଅଧର ହାଣ୍ଡିରେ ପଣା ପ୍ରସ୍ତୁତ କରିଥାନ୍ତି। ଏହାପରେ ପତ୍ରିବଡୁ, ସୁଆରବଡୁ ଓ ଗରାବଡୁ ପାଳିଆ ସେବକ ତିନି ରଥରେ ପୂଜା ପାଠ କରନ୍ତି। ତତ୍ ପରେ ପାଳିଆ ପୂଜା ପଣ୍ଡା ପଞ୍ଚୋପଚାରରେ ପୂଜା କରିଥାନ୍ତି।

ଜନଶ୍ରୁତି ଅନୁଯାୟୀ ରଥ ଉପରେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ‘ଅଧର ପଣା’ ଭୋଗ ହୋଇ ରଥର ପାଶ୍ୱର୍ ଦେବାଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡା ମାନଙ୍କ ପାଇଁ ଅଧର ହାଣ୍ଡି ଭଙ୍ଗା ଯାଇଥାଏ । ଗବେଷକଙ୍କ ମତଅନୁଯାୟୀ ‘ପତିତ’ ଉଦ୍ଧାର ପାଇଁ ଅଧର ହାଣ୍ଡି ଭଙ୍ଗାଯାଏ । ସେମାନଙ୍କ ପାଇଁ ସମର୍ପଣର ପ୍ରଥା ନାହିଁ, ତେଣୁ ଉତ୍ସର୍ଗ ହିଁ କରାଯାଏ । ସାଧାରଣତଃ ଅନେକ ସେବକ ତଥା ସ୍ଥାନୀୟ ଜନସାଧାରଣ ଅଧରପଣା ସେବା କରନ୍ତି ନାହିଁ । ବାସ୍ତବିକ୍ ରଥ ଉପରେ ଅଧରପଣା ହେବା ପରେ ତତ୍ ପରଦିନ କିମ୍ବା ତା’ପରେ ଯେ କୌଣସି ଦିନ ଠାକୁରମାନେ ନୀଳାଦ୍ରି ବିଜେ ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରିଥାନ୍ତି । କେତେକେ ଗବେଶକଙ୍କ ମତରେ ଅଧରପଣା ପରମ୍ପରା ୪୫୦ ବର୍ଷର ପୂରାତନ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.