୨୪ରେ ଆଉ ଏକ ଲଘୁଚାପ, ଟ୍ୱିଟ୍ କରି ସୂଚନା ଦେଲା ପାଣିପାଗ କେନ୍ଦ୍ର । 

2,535

କନକ ବ୍ୟୁରୋ: ରାଜ୍ୟରେ ପୁଣି ଲଗାଣ ବର୍ଷା ଆଲର୍ଟ । ଆସନ୍ତା ୨୪ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ଏନେଇ ଟ୍ୱିଟ୍ କରି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଉତ୍ତର-ପଶ୍ଚିମ ପାଶ୍ୱର୍ବର୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ଦୁଇ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ସେହିପରି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମି ରହିବାକୁ ଥିବାରୁ ସମସ୍ୟା ଉପୁଜିପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂସ୍ଖଳନ ହୋଇପାରେ । ଏଥିପାଇଁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।