ବଢିଲା କଳାକାରଙ୍କ ପାରିଶ୍ରମିକ : ଲୋକକଳାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ

7,688

କନକ ବ୍ୟୁରୋ : ରାଜ୍ୟରେ ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପ୍ରଗତିଶୀଳ ପଦକ୍ଷେପ ନେଇଛନ୍ତି । ୨୦୦୯ ମସିହାରୁ ବ୍ଲକ୍‌ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟସ୍ତର ପର୍ଯ୍ୟନ୍ତ କଳାକାରମାନଙ୍କ ସଂଘ ଗଠନ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଅନ୍ୟାନ୍ୟ ବିଭାଗ ଦ୍ବାରା ଲୋକକଳା କାର୍ଯ୍ୟକ୍ରମର ଆୟୋଜନ କରାଯାଇ ପ୍ରୋତ୍ସାହନ ଦିଆଯାଉଛି ।

କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡିକରେ କଳାକାରମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକାଶ ଯୋଗ୍ୟ ଯେ ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ଲୋକକଳା ଜରିଆରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ତଥା ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ପାଇଁ ପ୍ରଚାର ପ୍ରସାର କରାଯାଇଥାଏ ।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି । ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟ ମାନଙ୍କୁ ୮୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଏହାସହିତ, କଳାକାର ମାନଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଏ ଦିଆଯିବ ।

ଏହି ନୂତନ ପାରିଶ୍ରମିକ ଅନୁଯାୟୀ ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୨୦୦ ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ଏକ ଦୁଇ ଜଣିଆ ଦଳକୁ ଏକକାଳୀନ ୨୪୦୦ ଟଙ୍କା ପ୍ରଦାନ କରାଯିବ ।

ସେହିପରି ପାଲା ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ଏବେ ଏକ ୬ ଜଣିଆ ଦଳକୁ ଏକକାଳୀନ ୬୮୦୦ ଟଙ୍କା ଦିଆଯିବ ।

ଘୋଡାନାଚ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ୮ ଜଣିଆ ଘୋଡାନାଚ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ ।

ସେହିପରି ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୪୦୦ ଟଙ୍କା ଦିଆଯାଉଥିଲା । ଏବେ ଏକ ୮ ଜଣିଆ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ ।

ଲୋକକଳାର ସୁରକ୍ଷା ତଥା କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଏହି ପଦକ୍ଷେପ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।