କନକ ବ୍ୟୁରୋ : ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିକପ୍ଟର ଯୋଗେ ପାରଳାଖେମୁଣ୍ଡିରେ ପହଁଚିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ହିତାଧିକାରୀଙ୍କୁ ବଂଟନ କରିଥିଲେ । ଜିଲ୍ଲାର ୧.୩୫ ଲକ୍ଷ, ପ୍ରାୟ ୯୦ ପ୍ରତିଶତ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଜପତି ଜିଲ୍ଲା ସହ ବିଜୁ ବାବୁଙ୍କର ସଂପର୍କ ବିଷୟରେ ସମସ୍ତେ ଜାଣନ୍ତି । ତେଣୁ ଗଜପତି ଜିଲ୍ଲା ତାଙ୍କ ପାଇଁ ସ୍ବତନ୍ତ୍ର ଗୁରୁତ୍ବ ବହନ କରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିପାଇ ଗଜପତିରେ ସ୍ମାର୍ଟ ହେଲ୍‌ଥ କାର୍ଡ ଆରମ୍ଭ କରି ସେ ବହୁତ ଖୁସି ବୋଲି କହିଥିଲେ ।

Advertisment

ଗଜପତି ଜିଲ୍ଲାର ସ୍ବାତନ୍ତ୍ର୍ୟ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ହେଉଛି କଳା ଓ ସସ୍ଖୃତିର ଭୂମି । ଛୋଟିଆ ଜିଲ୍ଲା ହେଲେ ମଧ୍ୟ ଆଧୁନିକ ଓଡ଼ିଶା ପାଇଁ ଗଜପତି ର ଅବଦାନ ବହୁତ ବେଶୀ । ଏହି ଅବସରରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ । ସେ ଥିଲେ ବିକାଶ ଓ ସ୍ବାଭିମାନ ର ପ୍ରତୀକ । ସେହିପରି କବି ଗୋପାଳ କୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଡ. ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଗଜପତି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ରାସ୍ତାଘାଟ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମି ସହିତ ମେଗା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ । ଏହାସହିତ ମହେନ୍ଦଗିରି ତୀର୍ଥର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା - ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟ ସରକାରଙ୍କ ଏକ ଫ୍ଲାଗ ସିପ୍‌ କାର୍ଯ୍ୟକ୍ରମ। ଅଗଷ୍ଟ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଏହାର ଶୁଭାରମ୍ଭ କରିଥିଲେ। ଏହାପରେ ସୁନ୍ଦରଗଡ, ବଲାଙ୍ଗୀରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିବା ପରେ ଆଜି ଗଜପତିରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର, ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଓ ବିଧାୟକଗଣ ଯୋଗ ଦେଇଥିଲେ ।