ସର୍ବସମ୍ମତି କ୍ରମେ ପାରିତ ହୋଇଛି ପରିକ୍ରମା ପ୍ରକଳ୍ପ, ସମସ୍ତେ କରନ୍ତୁ ସହଯୋଗ । ବିବାଦ ପରେ ପୁରୀ ପରିକ୍ରମା ପ୍ରକଳ୍ପକୁ ନେଇ ବିଜେଡି ରଖିଲା ବଡ ବୟାନ ।

156

କନକ ବ୍ୟୁରୋ : ପୁରୀ ପରିକ୍ରମା ପ୍ରକଳ୍ପକୁ ନେଇ ବିଜେଡିର ପ୍ରତିକ୍ରିୟା । ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗି ରହିଥିବା ବେଳେ ବିଜେଡି ପକ୍ଷରୁ ବଡ ବୟାନ ରଖିଛନ୍ତି ଦଳର ମୁଖପାତ୍ର ଲେନିନ୍ ମହାନ୍ତି । ଲେନିନ୍ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଲେନିନ କହିଛନ୍ତି ଯେ, ଏହାପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ । କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା । ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା । ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣକୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ । ଏନଏମଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏହା ପରେ କାମ ଆରମ୍ଭ ହୋଇଥିଲା ।

ଏଏସଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା । ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ, ଓଡ଼ିଶା ବିଧାନସଭା ଦ୍ୱାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ୍ କରିବା ଏବଂ ପରବର୍ତ୍ତୀ ସମୟରେ ଏନଏମଏ ଦ୍ୱାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି । ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଆଶା କରାଯାଉଛି ଯେ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ ବୋଲି କହିଛନ୍ତି ଲେନିନ୍ ।