କନକ ବ୍ୟୁରୋ: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତ ବ୍ୟକ୍ତିଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେଇଛନ୍ତି ମୋହନ ମାଝୀ ।  ଆଜି ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ବି ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।

ବଜ୍ରାଘାତରେ ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ  ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ  ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଖାଲି ସେତିକି ନୁହେଁ ମୁଖ୍ୟମନ୍ତ୍ରୀ  ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।