ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ, ସାରା ଦେଶରେ ଏହି ଯୋଜନା ପ୍ରଥମ

171

କନକ ବ୍ୟୁରୋ: ଆଜି ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀବାସୀଙ୍କୁ ଧନ୍ୟବାଦ ଦେବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, କେବଳ ପୁରୀ ନୁହେଁ, ଓଡ଼ିଶା ବିକାଶରେ ଏହା ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏବେ ପୁରୀ ସହରର ସମସ୍ତ ବାସିନ୍ଦାଙ୍କୁ ସ୍ୱଚ୍ଛ ପିଇବା ପାଣି ମିଳିବ। ପୁରୀବାସୀଙ୍କୁ ଟ୍ୟାପରୁ ୨୪ ଘଣ୍ଟା ମିଳିବ ସ୍ୱଚ୍ଛ ପାଣି। ସାରା ଦେଶରେ ଏହି ଯୋଜନା ପ୍ରଥମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ପୁରୀ ଆଜି ଲଣ୍ଡନ, ଲସ୍‌ ଏଞ୍ଜେଲସ୍‌ ଓ ସିଙ୍ଗାପୁର ଭଳି ସହରାଞ୍ଚଳରେ ସାମିଲ ହୋଇଛି। ଏହି ଯୋଜନା ପରେ ଏବେ ପୁରୀରେ ପର୍ଯ୍ୟଟକ ଆଉ ପାଣି ବୋତଲ ଧରି ବୁଲିବେ ନାହିଁ। ସହରର ପ୍ରତି ସ୍ଥାନରେ ପାଣି ଟ୍ୟାପର ବ୍ୟବସ୍ଥା କରାଯାଇଛି। ଏହାଦ୍ବାରା ପୁରୀର ଅଢେଇ ଲକ୍ଷ ଲୋକ ଏବଂ ଏଠାକୁ ପ୍ରତିବର୍ଷ ଆସୁଥିବା ୨ କୋଟି ପର୍ଯ୍ୟଟକ ଉପକୃତ ହେବେ ବୋଲି ବି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପ୍ରକଳ୍ପରେ ବଡଦାଣ୍ଡ ସହିତ ସହରର ୪୦୦ଟି ଜାଗାରେ ୱାଟର ଫାଉଣ୍ଟେନ ରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୦୦ ମେଟ୍ରିକ ଟନ୍‌ ପ୍ଲାଷ୍ଟିକ ୱେଷ୍ଟରୁ ମଧ୍ୟ ସହର ରକ୍ଷା ପାଇପାରିବ। ଏହି କାର୍ଯ୍ୟକ୍ରମରେ ୫-ଟି ସଚିବ ଭିକେ ପାଣ୍ଡିଆନ ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ବ୍ୟବସ୍ଥା ସଂପର୍କରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ।