ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ : ୨୦୦୦ ବିସ୍ଥାପିତଙ୍କୁ ଘରଡିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

135

କନକ ବ୍ୟୁରୋ : ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିବ । ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାରେ ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ଦ୍ୱାରା ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ । ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ ଅବସରରେ ଏପରି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଜିଲ୍ଲାର ୧ ଲକ୍ଷ ୧୫ ହଜାର ହିତାଧିକାରୀ ସ୍ମାର୍ଟ କାର୍ଡର ସୁବିଧା ପାଇବେ । ଏହା ସହ ମୁଖ୍ୟମନ୍ତ୍ରୀ ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତିପ୍ରସ୍ତର ରଖାଯାଇଥିଲା । ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବା ପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ୨୦୨୨ଜୁନ୍ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପିଇବା ପାଣି ଯୋଗାଇ ଦିଆଯିବ ।

ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ।

ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଲୋକମାନେ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ସେ କହିଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ ।