କନକ ବ୍ୟୁରୋ : ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ । ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ, ମାଙ୍କ ଆସ୍ଥାନକୁ । ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ। ପବିତ୍ର ମନ୍ତ୍ରଧ୍ୱନିର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ସ୍ୱରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ।

Advertisment

ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମା’ଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ । ଗଞ୍ଜାମବାସୀଙ୍କ ସୁଖଦୁଃଖରେ ଆମେ ମା’ଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମା’ଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି ବୋଲି କହିଛନ୍ତି। ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ମା ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ୟ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗର ମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ଯେବେ ବି ମାଙ୍କ ଦର୍ଶନ ପାଇଁ ପୀଠକୁ ଆସିଛି, ସେତେବେଳେ ମୋତେ ବହୁତ ଭଲ ଲାଗିଛି।

ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚପ୍ରଶଂସା କରିଥିଲେ । ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଥିଲେ। ଏହି ଭବ୍ୟ ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି ପଦ୍ମଵିଭୂଷଣ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ ରହିଥିଲା ।

ଏହାସହ ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିକଶିତ ବିଭିନ୍ନ ସୁବିଧା ସୁଯୋଗର ଲୋକାର୍ପିତ କରିବା ସହ ଋଷିକୂଲ୍ୟା ନଦୀ ତଟ ଉନ୍ନତିକରଣ କାର୍ଯ୍ୟର ଭିତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ ।ସୂଚନାଯୋଗ୍ୟ ଯେ ବ୍ରହ୍ମପୁର ଠାରୁ ୩୦ କିଲୋମିଟର ଦୂରରେ ଋଷିକୂଲ୍ୟା ନଦୀ କୂଳରେ ମା’ ତାରାତାରିଣୀଙ୍କ ପୀଠ ଏକ ପ୍ରସିଦ୍ଧ ଶକ୍ତିସ୍ଥଳ। କୁମାରୀ ପାହାଡର ସର୍ବୋଚ୍ଚ ଶିଖରରେ ପୂଜା ପାଆନ୍ତି ଦୁଇ ଦେବୀ ମା ତାରା ଓ ତାରିଣୀ। ଏହି ପୀଠକୁ ଏକ ନୂଆ କଳେବର ଦେବା ପାଇଁ ଯେଉଁ ପ୍ରୟାସ ଆରମ୍ଭ ହୋଇଥିଲା ତାହା ସଫଳ ହୋଇଛି । ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି କେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାପାଳ ଥିବା ସମୟରେ ମନ୍ଦିର ରୂପାନ୍ତରର ଭୂମି ପୂଜନ କରାଯାଇଥିଲା । ଆଉ ଆଜି ଏହା ସଫଳ ହୋଇଛି ।

ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋରମ ପରିବେଶ ସୃଷ୍ଟି କରାଯାଇଛି। ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ବଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର, ବିଶ୍ରାମସ୍ଥଳ, ସେଣ୍ଟ୍ରାଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି । ପାହାଚ ଶ୍ରେଣୀ, ରୋପ୍‌ ୱେ ଏବଂ ନୂତନ ସଡକ ସହିତ ଦ୍ବାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି । ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ଯ୍ୟକୁ ଅନୁଭବ କରିବାର ସୁଯୋଗ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି। ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି ।