୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ, ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଆରମ୍ଭ ହେଲା କାମ ।

Advertisment
୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ସଂରକ୍ଷଣ, ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଆରମ୍ଭ ହେଲା କାମ ।

କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ  ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ୍ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।  ଏହାସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ। ଆଜି ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲାଗୁଡିକ ହେଲା – ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା ।

ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ୱାର୍ଡ; ପାଲଲହଡା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ  ଓ ତା ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ୱାରା କୋଭିଡ ବିରୁଦ୍ଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, ଢେଙ୍କାନାଳ ସାଂସଦ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ  ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ୟ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଂଚାଳନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କିଶନ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe