ଦୂର ହେବ ଅକ୍ସିଜେନର ଅଭାବ । ରାଜ୍ୟର ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ୍ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ ।

188

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି PSA ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି । ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ, କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନାର ଦ୍ବିତୀୟ ଲହରୀରେ ମେଡିକାଲ ଅକ୍‌ସିଜେନର ଆବଶ୍ୟକତା ବହୁତ ବଢିଯାଇଥିଲା । ଏହି ସମୟରେ ଓଡିଶାରେ ଅକ୍‌ସିଜେନ ଯୋଗାଣ ନେଇ କୌଣସି ସମସ୍ୟା ହୋଇନାହିଁ । ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା ୧୭ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିପାରିଛି । ଓଡିଶା ପାଇଁ ଏହା ନିଶ୍ଚିତ ଭାବରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହିତ ପ୍ରତ୍ୟେକ ଓଡିଆଙ୍କ ପାଇଁ ଏହା ଆତ୍ମସନ୍ତୋଷର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅକ୍‌ସିଜେନର ଉତ୍ପାଦନ ଠାରୁ ଆରମ୍ଭ କରି ରୋଗୀକୁ ସେବା ଯୋଗାଇ ଦେବା ପର୍ଯ୍ୟନ୍ତ ବ୍ୟବସ୍ଥା ଏକ ଜଟିଳ ପ୍ରକ୍ରିୟା । ଏଥିରେ ବହୁତ ଯନ୍ତ୍ରପାତି, ଯାନବାହାନ, ନିରନ୍ତର ତଦାରଖ ଏବଂ ଅନ୍ୟାନ୍ୟ ବ୍ୟବସ୍ଥାର ଆବଶ୍ୟକତା ଜରୁରୀ । ଓଡିଶାକୁ ଆମେ ଦେଶର ବିଭିନ୍ନ ସ୍ଥାନରୁ ଏପରିକି ଚୀନ୍‌ରୁ ମଧ୍ୟ ଅକ୍‌ସିଜେନ ସିଲିଣ୍ଡର ଆଣି ଆମର ବ୍ୟବସ୍ଥାକୁ ସୁଦୃଢ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କରୋନା ଭୂତାଣୁ ସଂକ୍ରମଣର ଅନିଶ୍ଚିତ ଗତି ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ଠାରୁ ହିଁ ଆମକୁ ପ୍ରସ୍ତୁତ ରହିବାକୁ ହେବ । ଏଥିପାଇଁ ଆମର ସ୍ବାସ୍ଥ୍ୟ ଭିତ୍ତିଭୂମି, ସ୍ବାସ୍ଥ୍ୟ କର୍ମଚାରୀ ଓ ପ୍ରଶିକ୍ଷଣ ବ୍ୟବସ୍ଥାକୁ ଗୁରୁତ୍ବ ଦେଇ କାମ କରାଯାଉଛି । ଆଜିର ନୂଆ ବ୍ୟବସ୍ଥା ଗୁଡିକ ଲୋକଙ୍କୁ ଖୁବଶୀଘ୍ର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହିସବୁ ଭିତ୍ତିଭୂମି ପାଇଁ କର୍ପୋରେଟ କ୍ଷେତ୍ରର ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।