ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ : ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

151

କନକ ବ୍ୟୁରୋ : ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚାଲିଛି ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ । ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଶେଷ ଦର୍ଶନ କରିବା ପାଇଁ ବହୁ ବିଶିଷ୍ଟ ବ୍ୟକ୍ତି ପହଞ୍ଚିଛନ୍ତି । ଶେଷ ଦର୍ଶନ ପାଇଁ ତାଙ୍କ ସଂପର୍କୀୟଙ୍କ ଭିଡ଼ ଜମୁଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାସଭବନରେ ପହଞ୍ଚି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହା ପରେ ତାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା, ଲୋକସେବା ଭବନ ଓ ପରେ ଶଙ୍ଖ ଭବନ ନିଆଯିବ ।

ଶେଷରେ ପାର୍ଥିବ ଶରୀରକୁ ତାଙ୍କ ନିର୍ବାଚନ ମଣ୍ଡଳୀ ଦିଗପହଣ୍ଡି ନିଆଯାଇ ସେଠାରେ ଶେଷକୃତ୍ୟ କରାଯିବ । ଗତକାଲି ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ସମେତ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରଛନ୍ତି ।