ଉତ୍କଳ ଦିବସରେ ବରପୁତ୍ରଙ୍କୁ ସମ୍ମାନ : କଟକରେ ଗାନ୍ଧୀ ଓ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀ

63

କନକ ବ୍ୟୁରୋ : ଉତ୍କଳ ଦିବସ ଅବସରରେ ବରପୁତ୍ରଙ୍କୁ ସମ୍ମାନ । କଟକ ଗୋପବନ୍ଧୁ ଛକରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ମୁଖ୍ୟମନ୍ତ୍ରୀ ବେଲଭ୍ୟୁ ଛକରେ ମହାତ୍ମଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ କୋଭିଡ ସ୍ଥିତିକୁ ଦେଖି କମିସନରେଟ ପୁଲିସ ପକ୍ଷରୁ ଭିଡ ନିୟନ୍ତ୍ରଣ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତି ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତି ବା Statue of Humanity ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତି ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ମୁଖ୍ୟମନ୍ତ୍ରୀ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି ।

ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି ।ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ ।

ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଈ,  ପ୍ରତାପ ଜେନା, ଏମ୍ ପି ଭତୃହରି ମହତାବ ଏମ୍ ପି ସୁବାସ ସିଂହ କଟକ ଜିଲ୍ଲାର ବିଧାୟକ ଗଣ ସମାଜ ଅନୁଷ୍ଠାନର କାର୍ଯ୍ୟକର୍ତା ମାନେ ଉପସ୍ଥିତ ଥିଲେ ।

Comments are closed.