ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡରେ ଯୋଡି ହେଲା ନୟାଗଡ଼ ଜିଲ୍ଲା : ହିତାଧିକାରୀଙ୍କୁ କାର୍ଡବଣ୍ଟନ କରାଗଲା

୮୫ କୋଟି ୩୫ ଲକ୍ଷ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଜଗତସିଂହପୁରରେ ବି ରହିଛି କାର୍ଯ୍ୟକ୍ରମ

116

କନକ ବ୍ୟୁରୋ : ବିଜୁ ସ୍ମାର୍ଟ କାର୍ଡରେ ଆଜି ଯୋଡିହେଲା ଆଉ ୨ ଜିଲ୍ଲା । ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ଆଜି ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବଂଟନ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ଗତକାଲି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍ମାର୍ଟକାର୍ଡ ବାଂଟିଥିଲେ ନବୀନ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ସ୍ମାର୍ଟ ହେଲ୍ଥ କାର୍ଡ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ।

ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।