ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନ, ୫ ଟି ଜିଲ୍ଲାର ୪୪୦ ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

89

କନକ ବ୍ୟୁରୋ : ଶନିବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୪୦ ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। କେନ୍ଦୁଝର ଜିଲ୍ଲାର ୧୪୫ଟି ହାଇସ୍କୁଲ, ସୁନ୍ଦରଗଡର ୧୮୦ଟି, ରାୟଗଡର ୭୦ଟି,ଓ ନୂଆପଡାର ୪୫ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ୟ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି ।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡି ପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ୟ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ୟ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ୟ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ୟ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ୟ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।