କନକ ବ୍ୟୁରୋ : ପଛକୁ ପଛ ଆସୁଛି ପଶ୍ଚିମା ଝଡ଼ । ଆସନ୍ତା ୨ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡ଼ର ପ୍ରଭାବ ରହିବ । ଦେଶର ଉତର ପଶ୍ଚିମ ଭାଗକୁ ଏହା ପ୍ରଭାବିତ କରିବ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏବେ ମଧ୍ୟ ରାଜ୍ୟରେ ଏକ ପଶ୍ଚିମା ଝଡ଼ର ପ୍ରଭାବ ରହିଛି ।

Advertisment

ଆଜି ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ହେଉଛି ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର । ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଟକ ଓ ଢେଙ୍କାନାଳରେ ୭ରୁ ୧୧ ମିଲିମିଟର ବର୍ଷା ହୋଇପାରେ ।

କିଛି ସ୍ଥାନରେ କୁଆପଥର ମାଡ଼ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଉପକୂଳ ଓ ଉତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।