କୋଟିପତି ଏଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଥିଲେ ଗିରଫ

135

କନକ ବ୍ୟୁରୋ: ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ନିକଟରେ ତ୍ରିନାଥ ମିଶ୍ରଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା । ଏବେ ତାଙ୍କ ବିରୋଧରେ ସରକାର କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଂଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକାସମୟରେ ତଲାସୀ କରାଯାଇଥିଲା । ଏହି ତଲାସୀରୁ ତାଙ୍କର ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା । ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ତ୍ରିନାଥ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।