ବ୍ରହ୍ମପୁରରୁ ଜୟପୁର ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ଖୁବଶୀଘ୍ର । ତିନି ବର୍ଷରେ ସରିବ କାମ । ୩୦୫ କିଲୋମିଟର ଏହି ସଡକରେ ପାହାଡ ଖୋଳା ଯାଇ ନିର୍ମାଣ କରାଯିବ ଟନେଲ୍

2,119

କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ୍ ଆଜି ଦୁଇ ଦିନିଆ ଗସ୍ତରେ ଗଜପତି ଜିଲ୍ଲା ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି । ବିଶେଷକରି ଗୁରୁତ୍ୱପୂର୍ଣ୍ଣ ବିଜୁ ଏକ୍ସପ୍ରେସ ୱେ’ର ନିର୍ମାଣ ସମ୍ପର୍କରେ ପୂର୍ତ୍ତ ବିଭାଗର ଅଧିକାରୀମାନଙ୍କ ସହିତ ଆଲୋଚନା କରି ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ବିଜୁ ଏକ୍ସପ୍ରେସ ୱେ -୧ର ନିର୍ମାଣ କାମ ସଫଳତାର ସହ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟ ସରକାର ଏବେ ବିଜୁ ଏକ୍ସପ୍ରେସ ୱେ-୨ ର କାମ ଆରମ୍ଭ କରିବାକୁ ଯାଉଛନ୍ତି । ରାଜ୍ୟର ଅର୍ଥନୈତିକ ଓ ସାମାଜିକ ବିକାଶ ଦୃଷ୍ଟିରୁ ଏହା ଖୁବ୍ ଗରୁତ୍ୱ ବହନ କରେ । ୩୦୫ କିଲୋମିଟର ଦୀର୍ଘ ଏହି ରାସ୍ତା ବ୍ରହ୍ମପୁର ସହରକୁ ଜୟପୁର ସହ ଯୋଡିବ ଏବଂ ଏହି ପ୍ରକଳ୍ପର ପାଇଁ ପ୍ରାୟ ୭୦୦୦ କୋଟି ଟଙ୍କା ବିନିଯୋଗ କରାଯିବ । ଏହା ସମ୍ପୂର୍ଣ୍ଣ ଭାବେ ଏକ ନୂଆ ପ୍ରକଳ୍ପ । ଏହା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ- ଏହି ୪ଟି ଜିଲ୍ଲାର ୧୫ଟି ବ୍ଲକ ଦେଇ ନିର୍ମିତ ହେବ । ଗଞ୍ଜାମରେ ୪୩ କି.ମି., ଗଜପତିରେ ୪୭ କି.ମି., ରାୟଗଡାରେ ୧୫୮ କି.ମି. ଓ କୋରାପୁଟରେ ୫୭ କି.ମି. ରାସ୍ତା ତିଆରି କରାଯିବ । ଏହା ଦ୍ୱାରା ବ୍ରହ୍ମପୁରରୁ ଜୟପୁରକୁ ଗସ୍ତ ସମୟ ୮ ଘଣ୍ଟାରୁ ୫ ଘଣ୍ଟାକୁ କମିଯିବ । ବ୍ରହ୍ମପୁରରୁ ମୋହନା ମାତ୍ର ୪୫ ମିନିଟ୍‌ ଲାଗିବ ଏବଂ ରାୟଗଡାରୁ ମୋହନା ମାତ୍ର ଦେଢ ଘଣ୍ଟା ଲାଗିବ ଯାହାକି ବର୍ତ୍ତମାନ ପ୍ରାୟ ୪ ଘଣ୍ଟା ଲାଗୁଛି ।

ଏହି ସଡକରେ ରାଜ୍ୟରେ ପ୍ରଥମ ଥର ପାଇଁ ପାହାଡ ଖୋଳା ଯାଇ ରାସ୍ତା ନିର୍ମାଣ କରାଯିବ ଯାହାଦ୍ୱାରା କି ସଡକର ଦୈର୍ଘ୍ୟ ପ୍ରାୟ ୨୫ ରୁ ୩୦ କି.ମି. କମିଯିବ ଏବଂ ଯିବାଆସିବା ସମୟ ମଧ୍ୟ ୨ ଘଣ୍ଟା କମ ରହିବ । ଏହା ଦ୍ୱାରା ଦକ୍ଷିଣ ଓଡିଶାରେ ଏକ ନୂଆ ଇକୋନୋମିକ୍ କରିଡର ସୃଷ୍ଟି ହୋଇପାରିବ ଏହି କାମ ତିନି ବର୍ଷ ମଧ୍ୟରେ ଶେଷ ହେବ ବୋଲି ଭି.କେ. ପାଣ୍ଡିଆନ୍ ସୂଚନା ଦେଇଥିଲେ ।

ଭି.କେ.ପାଣ୍ଡିଆନ୍ ଏହାପରେ ଜିରାଙ୍ଗର ବୁଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ଜିରାଙ୍ଗ କଲେଜର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଜିରାଙ୍ଗ କଲେଜରେ ୬ ମାସ ମଧ୍ୟରେ ଡିସେମ୍ବର ସୁଦ୍ଧା ସ୍ମାର୍ଟ କ୍ଲାସ ଆରମ୍ଭ କରାଯିବ ବୋଲି ସେ ପ୍ରତିଶୃତି ଦେଇଥିଲେ । ପିଲାମାନଙ୍କ ସହ ଆଲୋଚନା କରି ସେ ନିଜ କଲେଜର ଉନ୍ନତି ପାଇଁ କାମ କରିବାକୁ ପିଲାଙ୍କୁ ପରାମର୍ଶ ଦେଇଥିଲେ । ଭଲ ପାଠ ପଢି ଓଡିଶାର ବିକାଶରେ ଯୋଗଦାନ ରଖିବାକୁ କହିଥିଲେ ।

ଏହା ସହିତ ସାଧାରଣ ଜନତାଙ୍କୁ ଭେଟି ସେମାନଙ୍କ ବିଭିନ୍ନ ସମସ୍ୟା ମଧ୍ୟ ଶୁଣିଥିଲେ । ଜିଲ୍ଲାସ୍ତରରେ ଯାହା ସମ୍ଭବ ତାକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେବା ସହିତ ଅନ୍ୟ ସମସ୍ୟାର ସମାଧାନ ପାଇଁ ପ୍ରସ୍ତାବ ପଠାଇବାକୁ ପରାମର୍ଶ ଦେଇଥିଲେ ।