କନକ ବ୍ୟୁରୋ : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହାର ପ୍ରଭାବରେ ଆଜି ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
Kanak News is now on WhatsApp
Join and get latest news updates delivered to you via WhatsApp
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼ ୪ରୁ ୫ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେପ୍ଟେମ୍ବର ୧ରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ସ୍ଥାନେ ସ୍ଥାନେ ୭୦ରୁ ୮୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ୧ରୁ ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ। ଏହି ସମୟରେ କେନ୍ଦ୍ରୀୟ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି। ୧ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପୁରୀ, କଟକ, ନୂଆପଡ଼ା ଓ ବଲାଙ୍ଗିରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ୩ ଓ ୪ ତାରିଖରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।