କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏଁ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଦିଗରେ ଏକ ବଳିଷ୍ଠ ପଦକ୍ଷେପ। ସମସ୍ତଙ୍କର ସମ୍ମାନର ସହିତ ବଞ୍ଚିବାର ଅଧିକାର ଅଛି ଏବଂ ଏହି ହେଲଥ କାର୍ଡ ଏହି ଅଧିକାରକୁ ସୁନିଶ୍ଚିତ କରିଛି । ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ ଅନୁଗୁଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଅନୁଗୁଳ ଜିଲ୍ଲା ଯାଇ ସେଠାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଉଦବୋଧନ ଦେଇ ବରେଣ୍ୟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସଂକଳ୍ପ ଓ ତ୍ୟାଗକୁ ସ୍ମରଣ କରିଥିଲେ। ସେମାନଙ୍କ ଦ୍ୱାରା ପ୍ରତିଷ୍ଠିତ ବାଜିରାଉତ ଛାତ୍ରାବାସ ପାଇଁ ଅନୁଗୁଳ ଜିଲ୍ଲା ପ୍ରସିଦ୍ଧ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଅବସରରେ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ସଂଗ୍ରାମୀ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
ସେହିପରି ଢେଙ୍କାନାଳରେ ମୁଖ୍ୟମନ୍ତ୍ରୀ ଶହୀଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ କହିଥିଲେ ଯେ ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି । ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀ ମାନଙ୍କୁ ପ୍ରଣାମ ଜଣାଇଥିଲେ। ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି । ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ମାର୍ଟ ହେଲ୍ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।
ତା ସହିତ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ ସହ ସ୍ବାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/11/28-23.jpg)