ପୁଣି ଘୂର୍ଣ୍ଣିବଳୟ : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

340

କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଆଡ଼କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଫ‌ଳରେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ ଖାଲୁଆ ଜମିରେ ପାଣି ଜମି ରହି ଫସଲହାନିର ସମସ୍ୟା ଉପୁଜିପାରେ । ଏଣୁ ଏବେଠାରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

କେନ୍ଦ୍ରର ସୂଚନା ମୁତାବକ ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଜି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

୨୯ ତାରିଖ ଦିନ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୩୦ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ । କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।