ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା । ପଢନ୍ତୁ, କଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ?

513

କନକ ବ୍ୟୁରୋ: ନୂଆଁଖାଇରେ ରାଜ୍ୟର ଚାଷୀଙ୍କୁ ଭେଟି ଦେଇଛନ୍ତି ସରକାର । ୪୧ ଲକ୍ଷ ଚାଷୀଙ୍କ ଖାତାକୁ ସିଧାସଳଖ ଯାଇଛି କାଳିଆ ଟଙ୍କା । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ।

ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିସହିତ ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର ସହାୟତା ଦିଆଯାଇଥିଲା । ଯେଉଥିରେ ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଯାଇଥିଲା ।

“କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ”,ବୋଲି ନବୀନ କହିଛନ୍ତି ।

ଏଥିସହିତ ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। । ଆପଣମାନଙ୍କୁ ଖୁବଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ ବୋଲି ନବୀନ କହିଛନ୍ତି। ଏଥିସହିତ ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ ବୋଲି କାଳିଆ ଟଙ୍କା ଦେବା ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।