ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା । ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ନେଇ ଆକଳନ ।

348

କନକ ବ୍ୟୁରୋ: ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସ୍ଥିତି ରହିଥିବା ବେଳେ ୨୪ ଘଣ୍ଟାରେ ଗଞ୍ଜାମ, କନ୍ଧମାଳ, ପୁରୀ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ଆଜି ପାଇଁ ରାଜ୍ୟର ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନୂଆପଡ଼ା, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ନବରଙ୍ଗପୁର, ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୯ ତାରିଖରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।