ଆଉ ନାହାଁନ୍ତି ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ

1,164

କନକ ବ୍ୟୁରୋ : ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ବ୍ରେନ ଷ୍ଟୋକରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଥିଲା । ଡାକ୍ତରଙ୍କ ଉଦ୍ୟମ ସତ୍ୱେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିନଥିଲା । ୧୯୫୬ ଫେବ୍ରୁଆରୀ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ମହେଶ୍ୱର ମହାନ୍ତି ।

୧୯୯୫ ମସିହାରେ ଜନତା ଦଳ ଟିକେଟରେ ପୁରୀ ବିଧାନସଭାରୁ ନିର୍ବାଚିତ ହୋଇ ପ୍ରଥମେ ବିଧାୟକ ହୋଇଥିଲେ ମହେଶ୍ୱର । ଏହାପରେ ବିଜେଡି ଟିକେଟରେ ୨୦୦୦, ୨୦୦୪, ୨୦୦୯, ୨୦୧୪ରେ ପୁରୀ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କ୍ରମାଗତ ଭାବେ ୫ ଥର ପୁରୀ ନିର୍ବାଚନମଣ୍ଡଳୀର ସେ ପ୍ରତିନିଧିତ୍ୱ କରିଥିଲେ । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନସଭାର ବାଚସ୍ପତି ହୋଇଥିଲେ । ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀପଦ ସମ୍ଭାଳିଥିଲେ ମହେଶ୍ୱର ମହାନ୍ତି । ୨୦୧୧ରେ ପଞ୍ଚାୟତିରାଜ ମନ୍ତ୍ରୀ, ୨୦୧୨ରେ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ସହ ଯୋଜନା ଏବଂ ସମନ୍ୱୟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ସେହପରି ୨୦୧୩ରେ ଆଇନ ମନ୍ତ୍ରୀ ଭାବେ ମଧ୍ୟ ସେ କାର୍ଯ୍ୟ କରିଥିଲେ । ୨୦୧୭ରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ବାଳିଥିଲେ ମହେଶ୍ୱର । ଅନେକ ବାଦ ବିବାଦରେ ସେ ଛନ୍ଦି ହୋଇଥିଲେ ବି ରାଜ୍ୟ ରାଜନୀତି ବିଶେଷ କରି ପୁରୀ ରାଜନୀତିରେ ସେ ବେଶ ପ୍ରଭାବଶାଳୀ ଥିଲେ । ତେବେ ୨୦୧୯ରେ ସେ ନିର୍ବାଚନ ହାରି ଯାଇଥିଲେ ।

ଛାତ୍ର ରାଜନୀତିରୁ ନିଜ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ ମହେଶ୍ୱର ମହାନ୍ତି । ୧୯୭୫ ମସିହାରେ ପୁରୀ ମୁନିସିପାଲିଟି କାଉନସିଲର ଭାବେ ନିର୍ବାଚିତ ହୋଇ ସକ୍ରିୟ ରାଜନୀତିରେ ପାଦ ଦେଇଥିଲେ । ୧୯୮୫ରୁ ୧୯୯୦ ପର୍ଯ୍ୟନ୍ତ ପୁରୀ ମୁନିସିପାଲିଟିର ଅଧ୍ୟକ୍ଷ ହୋଇଥିଲେ ।