କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ଆଜି ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ ।

Advertisment

ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । କିନ୍ତୁ ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟଟି ଦକ୍ଷିଣପୂର୍ବ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ସହ ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳ ଉପରେ ପୂର୍ବରୁ ରହିଥିବା ଘୂର୍ଣ୍ଣିବଳୟଟି ମିଶି ଯାଇଛି । ଏହା ଆସନ୍ତା ୨୪ ତା‌ରିଖ ଆଡ଼କୁ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଉଛି ।

ଏହାର ପ୍ରଭାବରେ ୨୫ ତାରିଖରୁ ପ୍ରବଳ ବର୍ଷା ହୋଇପାରେ । ବିଶେଷକରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କା‌ନାଳ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏହି ସବୁ ଅଞ୍ଚଳ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସତର୍କ ରହିବାକୁ ଚେତାବନୀ ଦିଆଯାଇଛି ।