କନକ ବ୍ୟୁରୋ: ଆଜି ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଏହି ଉପଲକ୍ଷେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଅନ୍ୟାନ୍ୟ ନୀତି ଶେଷ ହୋଇଛି। ସ୍ନାନ କାର୍ୟ୍ୟ ପାଇଁ ଶ୍ରୀମନ୍ଦିର ସ୍ନାନମଣ୍ଡପ ସଜେଇ ହୋଇଛି। ମହାପ୍ରଭୁ ଶ୍ରୀମନ୍ଦିର ପରିସର ସୁନା କୂଅର ୧୦୮ ଗରା ଜଳରେ ସ୍ନାନ କରିବାର ପରମ୍ପରା ରହିଛି। କରୋନା କଟକଣା ଭିତରେ ସ୍ନାନଯାତ୍ରା ସେବା କାର୍ୟ୍ୟ ପାଇଁ ସେବକଙ୍କୁ ନିର୍ଦ୍ଦେଶ ରହିଛି। ସେପଟେ ଚଳିତବର୍ଷ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ନିର୍ଘଣ୍ଟ ଅନୁଯାୟୀ, ରାତି ଗୋଟାଏରୁ ଭୋର ୪ଟା ମଧ୍ୟରେ ପହଣ୍ଡି ଆରମ୍ଭ ହୋଇଛି । ଦିନ ୧୧ଟା ରୁ ହାତୀବେଶ ଆରମ୍ଭ ହେବ ଓ ୧୨ଟା ଭିତରେ ବେଶ ଶେଷ ହୋଇ ହାତୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ ।

Advertisment

ଗଜବେଶର କିମ୍ବଦନ୍ତୀ

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ରହିଛି । ତାହା ହେଲା, ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ । ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ଧାରଣ କରିଥିଲେ । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।