ଓଡିଶା ମୁହାଁ ବାତ୍ୟା ୟାସ । ୨୬ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଏହି ସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

747

କନକ ବ୍ୟୁରୋ: ଓଡିଶା ମୁହାଁ ସାମୁଦ୍ରିକ ଝଡ ୟାସ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୬ ତାରିଖ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିବ । ସେଥିପାଇଁ ପାଣିପାଗ ବିଭାଗ ତରଫରୁ ରାଜ୍ୟର କିଛି ସ୍ଥାନକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରେ ସମ୍ଭାବନା ରହିଛି । ଏହାସହ ଢେଙ୍କାନାଳ, ଅନୁଗୁଳ, ଦେବଗଡ, ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଇଏମଡିର ଆକଳନ ଅନୁସାରେ ଏହି ବାତ୍ୟା ଓଡିଶାରେ ମାଡ ହୋଇପାରେ । ବାଲେଶ୍ୱର – ଭୋଗରାଇ ଅଞ୍ଚଳ ଦେଇ ବାତ୍ୟା ଗତି କରିପାରେ ବୋଲି ଅନୁମାନ କରାଯାଇଛି । ପାଣିପାଗ ବିଭାଗ ମହାନିର୍ଦ୍ଦେଶକଙ୍କ କହିବା ଅନୁସାରେ ପାରାଦୀପରୁ ବାଙ୍ଗଲାଦେଶର ସାଗରଦ୍ୱୀପ ମଧ୍ୟରେ ସ୍ଥଳ ଭାଗ ଅତିକ୍ରମ କରିପାରେ କିନ୍ତୁ ଆଇଏମଡି ପକ୍ଷରୁ ଯେଉଁ ଗତିପଥ ଆକଳନ କରାଯାଇଛି, ସେହି ଆକଳନ କହୁଛି ଏହା ବାଲେଶ୍ୱର ପାଖରେ ହିଁ ଲ୍ୟାଣ୍ଡଫଲ କରିବ ।