ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ: ପ୍ରଭାବରେ ରାଜ୍ୟର ୫ ଜିଲ୍ଲାକୁ ଅରେଂଜ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ୫ ତାରିଖ ଯାଏଁ ବର୍ଷା ସମ୍ଭାବନା

925

କନକ ବ୍ୟୁରୋ: ଲଘୁଚାପର ରୂପନେଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ବିିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପକୁ ନଜରରେ ରଖି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ , ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜଗତସିଂହପୁର, କଟକ, କେନ୍ଦ୍ରାପଡା, ପୁରୀ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଗଂଜାମ, ଅନୁଗୁଳ, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କନ୍ଧମାଳ, ନୟାଗଡ, ବୌଦ୍ଧ ଏବଂ ଖୋର୍ଧା ଜିଲ୍ଲା ପାଇଁ ପ୍ରବଳ ବର୍ଷା ସଂଭାବନା ଥିବା ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୫ ତାରିଖ ଯାଏଁ ରାଜ୍ୟରେ ଲଘୁଚାପ ପ୍ରଭାବରୁ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ।

କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଆସନ୍ତା ୫ ତାରିଖ ଯାଏଁ ବର୍ଷା ଲାଗି ରହିବ। ଆଜି ଉପକୂଳ ସମେତ ପଶ୍ଚିମ ଓଡ଼ିଶାର କେ‌ତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, କେଉଁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ କନ୍ଧମାଳ ଆଦି ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ୩ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ। କେନ୍ଦୁଝର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏନେଇ ସତର୍କ ରହିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯିବା ସହ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସୋନପୁର, ସମ୍ବଲପୁର, ନୂଆପଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୪ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ସୋନପୁର, ସମ୍ବଲପୁର, ନୂଆପଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ‌ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୫ ତାରିଖରୁ ୬ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, କଟକ, ଯାଜପୁର, ଭଦ୍ରକ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।