କନକ ବ୍ୟୁରୋ : ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଉ ୩୬ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାରଠାରୁ ବର୍ଷା ଆରମ୍ଭ ହେବ । ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ରବିବାର ଉତ୍ତର, ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । କିନ୍ତୁ ସୋମବାର ଓ ମଙ୍ଗଳବାର ବର୍ଷାର ପରିମାଣ ବଢ଼ିବ । ପଶ୍ଚିମ ଓଡ଼ିଶାରେ ତଥା ହୀରାକୁଦର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବ । ଉତ୍ତର ଓଡ଼ିଶାରେ ଲଗାତର ତିନିଦିନ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏଠାରେ ସଙ୍ଗିନ ସ୍ଥିତି ଉପୁଜିପାରେ । ଅଗଷ୍ଟ ୧୫ରୁ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।