ଲଘୁଚାପ ପ୍ରଭାବ, ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା : ଆଜି ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

2,788

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆଜି ପାଇଁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗୀର, ବରଗଡ, ସୁବର୍ଣ୍ଣପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଦେବଗଡ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୁର୍ବାନୁମାନ କରାଯାଇଛି । ଏଥିସହ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କଟକ, ଯାଜପୁର, ନୟାଗଡ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ କେନ୍ଦ୍ରାପଡା ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହି ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ରହିବ ।

ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଅନ୍ୟପଟେ ଜୁନ୍ ୧ରୁ ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟରେ ସର୍ବମୋଟ ୧୧୦୫.୪ ମିମି ବର୍ଷା ହୋଇଯାଇଛି । ଯାହାକି ଏହି ସମୟ ଅବଧି ମଧ୍ୟରେ ହେଉଥିବା ସ୍ୱାଭାବିକଠୁ ୩% କମ୍ । ଏହି ସମୟ ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା ଓ ବୌଦ୍ଧରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର, କେନ୍ଦ୍ରାପଡ଼ା ଓ ପୁରୀରେ ନିଅଣ୍ଟିଆ ବର୍ଷା ହୋଇଯାଇଛି । ଏଥିସହ ଅବଶିଷ୍ଟ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି ।