୪ ଦିନ ଧରି ରାଜ୍ୟରେ ଜାରି ରହିବ ବର୍ଷା : ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା

1,530

କନକ ବ୍ୟୁରୋ : ପ୍ରାୟ ସପ୍ତାହେ ବ୍ୟବଧାନରେ ପୁଣି ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତାକାଲି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ଜୁଲାଇ ପହିଲାରୁ ରାଜ୍ୟରେ ବର୍ଷା ଲାଗି ରହିବ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।

୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୯ଟି ଜିଲ୍ଲାରେ ପ୍ରବଳ ବର୍ଷିବ। ସେହି ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜ। ଏଥିସହ ସେହିଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ‌ସେହିପରି ୩ ତାରିଖ ଦିନ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା ବଲାଙ୍ଗୀର, ସୋନପୁର, ସମ୍ବଲପୁର, ‌ବୌଦ୍ଧ, ବରଗଡ଼, କଳାହାଣ୍ଡି, କୋରାପୁଟ, ଗଞ୍ଜାମ ଓ ନବରଙ୍ଗପୁର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ସମେତ ଏହାର ଆ‌ଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ବର୍ଷା ହେବ। ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ୨୬ ଡିଗ୍ରି ରହିବ। ଗତ ୨୪ ଘଣ୍ଟା ମଧ୍ୟରେ ପାରାଦୀପରେ ସର୍ବାଧିକ ୫୩ ମିମି ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୫୧ ମିମି, ଭବାନୀପାଟଣାରେ ୪୦ ମିମି ଓ ନୟାଗଡ଼ରେ ୨୬ମିମି ବର୍ଷା ରେକର୍ଡ କରାଯାଇଛି।