ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ : ଆଜି ଓ କାଲି କେଉଁଠି ହେବ ବର୍ଷା ?

376

କନକ ବ୍ୟୁରୋ : ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା କରାଇବ । ଏହାଦ୍ବାରା ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି ।

ଏହାବ୍ୟତୀତ ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ହେବ । ୩୦ ତାରିଖ ଦିନ ବି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ । ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଆଜି ରାତି ସୁଦ୍ଧା ଲଘୁଚାପ କ୍ଷେତ୍ରଟି ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଓଡ଼ିଶାରେ ତିନି ଦିନ ବର୍ଷା ହେବ । ଉତ୍ତର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଅପେକ୍ଷାକୃତ ଅଧିକ ବର୍ଷା ହେବ । ଆଜିଠୁ ଆସନ୍ତାକାଲି ସକାଳ ଯାଏ ବାଲେଶ୍ବର, ଭଦ୍ରକ ଓ ଦକ୍ଷିଣ ମୟୂରଭଞ୍ଜରେ ହାରାହାରି ୬୦ମିମି ଓ ସ୍ଥାନେସ୍ଥାନେ ତା’ଠାରୁ ଅଧିକ ବର୍ଷା ହୋଇପାରେ ।

ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଖୋର୍ଧ‌ାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । କାଲିଠୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ବଢ଼ିବ । ସାରା ରାଜ୍ୟରେ ବର୍ଷା ହେବ । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ବର୍ଷା ହେବ । ଏହାସହ ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବରଗଡ଼, ସମ୍ବଲପୁରରେ ମଧ୍ୟମଧରଣର ବର୍ଷା ହେବ ବୋଲି ଡ. ପଶୁପାଳକ କହିଛନ୍ତି ।