ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ! ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ସତର୍କ ରହିବାକୁ ନିର୍ଦ୍ଦେଶ

803

କନକ ବ୍ୟୁରୋ : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ରହିଥିବା‌ ଘୂର୍ଣ୍ଣିବଳୟ ଏବେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଶନିବାର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ । ଏଣୁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । କିନ୍ତୁ ରାଜ୍ୟର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଆଜି ଉତ୍ତର ଓଡ଼ିଶାର କିଛି କିଛି ଅଞ୍ଚଳ‌ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାର କେତେକ ଅଞ୍ଚଳ ଏବଂ ଦକ୍ଷିଣ ଓଡିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ । କିନ୍ତୁ ଉତ୍ତର ଓଡିଶାର ବାଲେଶ୍ୱର, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହ ୧୯ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ୨୦ ତାରିଖ ଦିନ ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୋନପୁର ଆ‌ଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିବା ବେଳେ ସମସ୍ତ ଜିଲ୍ଲାପାଳ ଏବଂ ମହାନଗର ନିଗମ ଆୟୁକ୍ତ ସତରକ ରହିବା ପାଇଁ ଏସଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।  ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଶନିବାର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ରାଜ୍ୟରେ ବର୍ଷା ବଢ଼ିବା ଆରମ୍ଭ କରିବ । ବିଶେଷ କରି ଉତ୍ତର ଉପକୂଳରେ ବର୍ଷା ପରିମାଣ ଅଧିକ ରହିବ ।

୧୯ ଓ ୨୦ ତାରିଖ‌ରେ ଦକ୍ଷିଣ-ପଶ୍ଚିମ ଓଡ଼ିଶାକୁ ଛାଡ଼ିଲେ ସାରା ରାଜ୍ୟରେ ବର୍ଷା ହେବ । ଏଥିସହ ୧୯ ତାରିଖ ଆଡ଼କୁ ମୌସୁମୀ ଟ୍ରଫ୍‌ ସହ ଏହି ଲଘୁଚାପ କ୍ଷେତ୍ର ମିଶିଯିବ; ତେବେ ଏହା ଅଧିକ ଘନୀଭୂତ ହେବ ନାହିଁ । ଫଳରେ ରାଜ୍ୟରେ ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ହେବ। ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ଯଥା ଅବିଭକ୍ତ କୋରାପୁଟ ଓ ବଲାଙ୍ଗୀର ଆଦି ଅଞ୍ଚଳରେ ବର୍ଷା କମ୍‌ ରହିବ ବୋଲି ଡ. ପଶୁପାଳକ କହିଛନ୍ତି ।