ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର : ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

1,459

କନକ ବ୍ୟୁରୋ : ଗୋଟିଏ ଲଘୁଚାପ ନ ଯାଉଣୁ ଆଜି ପୁଣି ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ସକାଳେ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଏହା ବ୍ୟତୀତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

କେନ୍ଦ୍ରର ସୂଚନା ମୁତାବକ ଲଘୁଚାପ ପ୍ରଭାବରେ ମଙ୍ଗଳବାର ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ‌ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ‌ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳର ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ ।

ଏଣୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏହି ଅଞ୍ଚଳର ଗଭୀର ସମୁଦ୍ର ଅଞ୍ଚଳକୁ ପ୍ରବେଶ ନ କରିବାକୁ ମତ୍ସ୍ୟଜୀବୀମାନଙ୍କୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ସୋମବାର ଦିନ ମୟୂରଭଞ୍ଜ ଓ ବାଲେଶ୍ୱରରେ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷ ହୋଇଛି । ଏହା ବ୍ୟତୀତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।