ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା : ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା

2,229

କନକ ବ୍ୟୁରୋ : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୪ ଦିନ ଅର୍ଥାତ୍‌ ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର କହିଛି, ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ସମୁଦ୍ରପତ୍ତନରେ ଲମ୍ବିଥିବା ନିମ୍ନ ଚାପରେଖା ବା ଟ୍ରଫ-ଲାଇନ୍‌ ପ୍ରଭାବ ଓ ଦକ୍ଷିଣ ବାଂଲାଦେଶ ତଥା ତାର ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୨.୧ରୁ ୭.୬କିମି ଯାଏ ବ୍ୟାପିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି । ଏହି ଦୁଇ ପାଣିପାଗ ନିୟାମକ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହାବ୍ୟତୀତ ଆଜି ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ଖୋର୍ଧା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୪ ତାରିଖ ଦିନ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି । ଏଥିସହ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇଛି ।