ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ ! ପାଣିପାଗ ବିଭାଗ ପକ୍ଷରୁ ସୂଚନା

873

କନକ ବ୍ୟୁରୋ : କାର୍ତ୍ତିକ ପୂର୍ଣ୍ଣିମା ଯାଏ ରାଜ୍ୟରେ ଶୀତ ଅନୁଭୂତ ହେବ ନାହିଁ । ବର୍ଷା ଓ ମେଘୁଆ ପାଗ ଯୋଗୁଁ ଗତ କିଛି ଦିନ ହେବ ରାଜ୍ୟରେ ଶୀତର ପ୍ରକୋପ କମିଛି । ପାରଦ ସ୍ତର ସ୍ଥିର ରହିଥିବା ବେଳେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେ‌ଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଏବେ ରାଜ୍ୟର ରାତି ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିଛି । ଆଗକୁ ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ । ୧୭ ଓ ୧୮ ତାରିଖରେ ପୁଣି ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଅନେକ ସ୍ଥାନରେ ପାଗ ମେଘୁଆ ରହିବ । ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଉତ୍ତର ଆଣ୍ଡାମାନସାଗର ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଲଘୁଚାପ ବର୍ତ୍ତମାନ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବା ସହ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ। ପରେ ଏହା ପଶ୍ଚିମ ଆଡ଼କୁ ଗତି କରିବା ସହ ୧୮ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ । ଏହା ପ୍ରଭାବରେ ୧୭ ଓ ୧୮ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ । ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି । ଏଣୁ ଏହି ସମୟରେ ଗଭୀର ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

ଅନ୍ୟପ‌ଟେ ରାଜ୍ୟରେ ଆଜି ବି ବର୍ଷା ଜାରି ରହିଥିଲା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନ ସହ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଯାଇଛି । ବଲାଙ୍ଗୀରଠାରେ ଆଜି ସକାଳ‌େ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଥିଲା । ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଳାହାଣ୍ଡି ଓ ମାଲକାନଗିରି ଆଦି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିବା ଜଣାଯାଇଛି । ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି ।