ଲଘୁଚାପ ପ୍ରଭାବ : ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

2,044

କନକ ବ୍ୟୁରୋ : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟର କିଛି ସ୍ଥାନରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଏହି ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ । ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଅଗଷ୍ଟ ୨୪ ଠାରୁ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି । କାରଣ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପାଣିପାଗ କାର୍ଯ୍ୟାଳୟ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷା ହେବ । ଏ ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ବର୍ଷା ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। କାରଣ ଲଘୁଚାପ ଯୋଗୁଁ ସମୁଦ୍ରର ସ୍ଥିତି ଅଶାନ୍ତ ରହିବ ।