ସ୍ନାନବେଦୀରେ ଚତୁର୍ଦ୍ଧାମୂରତି । ଦୁର୍ଲ୍ଲଭ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।

184

କନକ ବ୍ୟୁରୋ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦିରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ଏହି ମାନବୀୟ ଲୀଳା ଅଧରପୋଛା ସହ ଅନ୍ୟାନ୍ୟ ନୀତି ପରେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରା ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ‌ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରବଳ ଖରା ଓ ଗୁଳୁଗୁଳି ସତ୍ତ୍ବେ ଭକ୍ତମାନେ ଏହି ବେଶ ଦର୍ଶନ କରି ବହୁତ ଖୁସି ଅନୁଭବ କରିଛନ୍ତି।

ନୀତିକାନ୍ତି ଅନୁଯାୟୀ, ମଙ୍ଗଳାର୍ପଣ ପରେ ଡୋରଲାଗି ଓ ପୁଷ୍ପାଞ୍ଜଳି ସହ ଭୋର୍‌ରୁ ଶ୍ରୀଜିଉଙ୍କ ପହଣ୍ଡି(ଧାଡ଼ି ପହଣ୍ଡି) ଆରମ୍ଭ କରାଯାଇଥିଲା । ପହଣ୍ଡି ଶେଷପରେ ସ୍ନାନ ନୀତି ଆରମ୍ଭ ହୋଇଥିଲା । ଏହା ପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧରପୋଛା, ଅବକାଶ, ବେଶଶେଷ, ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା। ଗଜବେଶ ଶେଷପରେ ମହନ୍ତ ଶାଢ଼ୀବନ୍ଧା, ଘଣ୍ଟଛତା ସକାଳଧୂପ ଅନୁଷ୍ଠିତ ହେବ। ପରେ ସନ୍ଧ୍ୟାରୁ ସାହାଣମେଲା ଦର୍ଶନ ଆରମ୍ଭ ହେବ । ଗଜବେଶ ଓଲାଗି ପରେ ରାତିରେ ଶ୍ରୀଜିଉଙ୍କ ବାହୁଡ଼ା ପହଣ୍ଡି ଶେଷ ହେବ । ବିଳମ୍ବିତ ରାତି ସାଢ଼େ ଗୋଟାଏରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ଅନୁଷ୍ଠିତ ହେବ ।