ଯମଯନ୍ତ୍ରଣା ଦେଉଛି ଯମୁନା : ପାଣିରେ ଉବୁଟୁବୁ ଦିଲ୍ଲୀ; ବିଧାନସଭା, ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପାଣି

166

କନକ ବ୍ୟୁରୋ : ଯମୁନା ନଦୀ ଯୋଗୁଁ ଭାସୁଛି ରାଜଧାନୀ ଦିଲ୍ଲୀ । ବିଭିନ୍ନ ରାସ୍ତା ଉପରେ ନଈ ଭଳି ପାଣିର ସୁଅ ଛୁଟୁଛି । ନଦୀ ଜଳସ୍ତର ବଢ଼ିବାରୁ ଦିଲ୍ଲୀରେ ସମସ୍ତ ସ୍କୁଲ୍ ଏବଂ କଲେଜ ଆସନ୍ତା ରବିବାର ପର୍ଯ୍ୟନ୍ତ ବନ୍ଦ ରହିଛି । ସେହିପରି ଏମର୍ଜେନ୍ସି ସେବା ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ଅଫିସ ବନ୍ଦ ରହିବ । ଘରୋଇ ଅଫିସଗୁଡ଼ିକ ୱାର୍କ ଫ୍ରମ ହୋମ୍ ଫର୍ମୁଲାରେ ଚାଲିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଦିଲ୍ଲୀରେ ବନ୍ୟା ସ୍ଥିତି ମୁକାବିଲା ପାଇଁ ୧୨ ଏନଡିଆରଏଫ୍ ଟିମ୍ ମୁତୟନ ହୋଇଛନ୍ତି । ଶ୍ମଶାନ ବନ୍ଦ ହୋଇଯାଇଛି । ବିଭିନ୍ନ ମେଡିକାଲରେ ପାଣି ପଶିଯିବାରୁ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଉତ୍ତର ଦିଲ୍ଲୀରେ ଏକ ସରକାରୀ ପରିଚାଳିତ ଟ୍ରମା ସେଣ୍ଟରରେ ପାଣି ପଶିଯିବାରୁ ୪୦ ରୋଗୀଙ୍କୁ ଏଠାରୁ ଏଲଏନଜେପି ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି । ଦିଲ୍ଲୀ ବିଧାନସଭା ନିକଟରୁ ମାତ୍ର ୩୫୦ ମିଟର ଦୂରରେ ନଦୀ ଜଳ ପହଞ୍ଚି ସାରିଛି । ଏପରିକି ସୁପ୍ରିମକୋର୍ଟ ନିକଟରେ ମଧ୍ୟ ପହଞ୍ଚିବାକୁ ଗଲାଣି ପାଣି ।

ବନ୍ୟାଜଳ ଯୋଗୁଁ ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଉପୁଜିଛି । ତଳିଆ ଅଞ୍ଚଳରୁ ଯୁଦ୍ଧକାଳୀନ ଭିତିରେ ଲୋକମାନଙ୍କୁ ଖାଲି କରାଯାଉଛି । ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀବାସୀଙ୍କ ସହଯୋଗ ଲୋଡ଼ିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହ ବୈଠକ କରିବାପରେ ରାଜ୍ୟରେ ସମସ୍ତ ସ୍କୁଲ୍ ଏବଂ କଲେଜ ବନ୍ଦ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।