ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

371

କନକ ବୁରୋ : ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଦିନବେଳା ଟାଣଖରା ଓ ଅପରାହ୍ଣରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗର ଆକଳନ କରିଛି । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିଭଳି ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ ।

୯ ତାରିଖ ଦିନ ମଧ୍ୟ ରାଜ୍ୟରେ କାଳବୈଶାଖୀର ପ୍ରକୋପ ରହିବ । କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ଦୁଇ ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାପରେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। କାଁ ଭାଁ ବର୍ଷା ସମ୍ଭାବନା ବି ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।